Advertisment

Akshaya Tritiya 2024: ଅକ୍ଷୟ ତୃତୀୟାର ଶୁଭ ଦିନରେ ଆରମ୍ଭ ହୁଏ ରଥ ନିର୍ମାଣ; ଜାଣନ୍ତୁ କେଉଁ କେଉଁ କାଠ ଲାଗେ

ବୈଶାଖ ମାସ ଶୁକ୍ଳ ପକ୍ଷ ତୃତୀୟା ଦିନକୁ ଅକ୍ଷୟ ତୃତୀୟା ଭାବେ ପାଳନ କରାଯାଏ। ଏହି ଦିନ ଶ୍ରୀଜୀଉମାନଙ୍କର ରଥନିର୍ମାଣ ମଧ୍ୟ ଅନୁକୂଳ କରାଯାଏ। ରଥରେ ୧୧୩୯ ଖଣ୍ଡ କାଠ ଲାଗେ।

author-image
Pramod Behera
ଅଦ୍ୟତନ ହୋଇଛି
Construction of three chariots begins on Akshaya Tritiya

On akshaya tritiya, the construction of ratha begins

ବୈଶାଖ ମାସ ଶୁକ୍ଳ ପକ୍ଷ ତୃତୀୟା ଦିନକୁ ଅକ୍ଷୟ ତୃତୀୟା ଭାବେ ପାଳନ କରାଯାଏ। ସଧାରଣତଃ କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି। ଚାଷୀ ଏହିଦିନ ଶୁଭ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଆନ୍ତି।

Advertisment

ଏହା ସହିତ ଏହାକୁ ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ। ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ। ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ସେହି ନୈବେଦ୍ୟକୁ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ। ଏହାକୁ ଅକ୍ଷିମୁଠି କୁହନ୍ତି।

ରଥ ନିର୍ମାଣ:

ଏହି ଦିନ ଶ୍ରୀଜୀଉମାନଙ୍କର ରଥନିର୍ମାଣ ମଧ୍ୟ ଅନୁକୂଳ କରାଯାଏ। ତନ୍ତ୍ରବିଧି ଅନୁସାରେ ମହାକାଳୀ ମନ୍ତ୍ରରେ ପୂଜିତ କୁରାଢି ଲଗାଇ ଦେଉଳ ପୁରୋହିତ ରଥ ନିର୍ମାଣର ଶୁଭାରମ୍ଭ କରିଥାନ୍ତି। ତାଳଧ୍ୱଜ, ଦେବଦଳନ ଓ ନନ୍ଦିଘୋଷ ରଥ ପାଇଁ ଉଦ୍ଦିଷ୍ଟ କାଠ ଗଣ୍ଡିରେ କୁରାଢି ସ୍ପର୍ଶ କରାଯାଇଥାଏ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପରେ ଶ୍ରୀଜୀଉଙ୍କ ଆଜ୍ଞାମାଳ ଚନ୍ଦନଠାକୁରଙ୍କ ସହ ପଟୁଆରରେ ରଥଖଳାକୁ ଆସିଥାଏ। ଏହାକୁ ତିନିଜଣ ପୂଜାପଣ୍ଡା ଆଣିଥାନ୍ତି।

Advertisment

ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖସ୍ଥ ରଥଖଳାରେ ଶ୍ରୀମନ୍ଦିର ପୁରୋହିତ, ରାଜଗୁରୁ ଓ ସ୍ତ୍ରୋତୀୟ ବ୍ରାହ୍ମଣମାନେ ବନଯୋଗ ପୂଜା ସମ୍ପାଦନା କରିବାର ବିଧି ରହିଛି। ରୂପକାର, କମାର, ଚିତ୍ରକର, ଭୋଇ, ଅମୀନସେବକମାନଙ୍କ ଉପସ୍ଥିତିରେ ବିଶ୍ୱକର୍ମାଙ୍କ ଶାଢୀବନ୍ଧା ନୀତି ପାଳିତ ହୁଏ। ରଥ ସଂହିତା ଓ ଶିଳ୍ପଶାସ୍ତ୍ର ଅବଲମ୍ବନରେ ରଥନିର୍ମାଣ କରାଯାଏ।

ରଥରେ ୧୧୩୯ ଖଣ୍ଡ କାଠ ଲାଗେ। ସେହି କାଠଗୁଡିକ ହେଲା ଫାସି, ଅସନ, ଧଉରା, ଶିମିଳି, ପାଳଧୂଆ, ମହାନିମ୍ବ, ଗମ୍ଭାରୀ, ମଇ, କଦମ୍ବ, ଦେବଦାରୁ ଇତ୍ୟାଦି। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର କର୍ମଚାରୀ ରଥଖଳାରେ ଉପସ୍ଥିତ ରହି ଏହିକାମ ସୁରୁଖୁରୁରେ ହେବାରେ ସାହାଯ୍ୟ କରିଥାନ୍ତି।

ଚନ୍ଦନ ଯାତ୍ରା:

ଏହି ଦିନଠାରୁ ଶ୍ରୀକ୍ଷେତ୍ରରେ ଚନ୍ଦନ ଯାତ୍ରା ଆରମ୍ଭ ହୁଏ। ଏତଦବ୍ୟତୀତ ଓଡ଼ିଶାର ଅନ୍ୟ ସ୍ଥାନରେ ମଧ୍ୟ ଚନ୍ଦନ ଯାତ୍ରା ପାଳନ କରାଯାଏ। ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ। ଏହା ଅକ୍ଷୟ ତୃତୀୟାଠାରୁ ଆରମ୍ଭ ହୋଇ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ। ଏହା ଅକ୍ଷୟ ତୃତୀୟାଠାରୁ ୨୧ଦିନ ପର୍ଯ୍ୟନ୍ତ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ।

Chariots Akshaya Tritiya Akshaya Trutiya
Advertisment
Advertisment