Advertisment

ପଣା ସଂକ୍ରାନ୍ତିକୁ କାହିଁକି କୁହାଯାଏ ଓଡ଼ିଆ ନୂଆ ବର୍ଷ

ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ। ଏହି ଦିନଟିକୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ। ଏହା ପଛରେ କ’ଣ ରହିଛି ମହତ୍ୱ, ଆସନ୍ତୁ ଜାଣିବା…

Pana Sankranti as odia NabaBarsa

Pana Sankranti as odia NabaBarsa

Advertisment

ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତିକୁ ଓଡ଼ିଆ ନୂଆ ବର୍ଷ ଭାବରେ ପାଳନ କରାଯାଏ। ଏହା ସାଧାରଣତଃ ଅପ୍ରେଲ ୧୪ (ବୈଶାଖ ୧) ତାରିଖରେ ପଡ଼େ। ଏହି ଦିନଠାରୁ ବସନ୍ତ ଋତୁ ଶେଷ ହୁଏ ଓ ଗ୍ରୀଷ୍ମର ଆରମ୍ଭ ହୋଇଥାଏ।

Advertisment

ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ। ଏହି ଦିନଟିକୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ। ବର୍ଷ ଆରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ। ଏହି ଦିନରୁ ସୂର୍ଯ୍ୟ କିରଣ ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧି ପାଇଥାଏ। ଗରିଷ୍ଠ ଖାଦ୍ୟ ହଜମ ହେଉଥିବାରୁ ବୁଟଛତୁ ପରି ଗରିଷ୍ଠ ଖାଦ୍ୟପଦାର୍ଥ ଗ୍ରହଣ ପାଇଁ ଆୟୋଜନ ଥାଏ।

କିପରି କରାଯାଏ ପାଳନ:

ଏହି ଦିନ ଏକ ଛୋଟ ମାଠିଆରେ ପଣା ରଖି ତୁଳସୀ ଚଉରା ମୂଳରେ ବାନ୍ଧିଦିଆଯାଏ। ମାଠିଆରେ ଥିବା ଛୋଟ କଣାରୁ ଧିରେ ଧିରେ ପାଣି ଝରେ ଯାହା ବର୍ଷାକୁ ସୂଚାଇଥାଏ। ଏହି ଠେକିକୁ ବସୁନ୍ଧରା ଠେକି କୁହାଯାଏ । ଛତୁଆ, ଦହି, ଗୁଡ଼, କଦଳୀ ଓ ନଡିଆକୁ ମିଶାଇ ତୁଳସୀ ଚଉରା ପାଖରେ ଭୋଗ ଲଗାଯାଏ। ବେଲ ପଣାରେ ବଟା ଭାଙ୍ଗ ମିଶାଇ ଭାଙ୍ଗ ପଣା ସେବନ ମଧ୍ୟ କରାଯାଇଥାଏ।

Advertisment

ଚଣ୍ଡୀ, ସାରଳା, ବିରଜା ଆଦି ଠାକୁରାଣୀ ମନ୍ଦିରରେ ଏହି ଦିନ ଝାମୁ ଯାତ ପାଳନ କରାଯାଏ । ଘଣ୍ଟପାଟୁଆମାନେ ଘଣ୍ଟ ମୁଣ୍ଡେଇ, କାଠ ଗୋଡ଼ ପିନ୍ଧି ଠାକୁରାଣୀ ମନ୍ଦିର ଆଗରେ ନିଆଁ ଉପରେ ଚାଲିବାର ପ୍ରଥା ରହିଛି। ଦକ୍ଷିଣ ଓଡ଼ିଶାରେ ମାସାଧିକ କାଳ ଧରି ଚାଲିଥିବା ଦଣ୍ଡ ନାଟର ଅନ୍ତଭାବେ ଏହିଦିନ ମେରୁ ଯାତ ପାଳନ କରାଯାଏ। ଲୋକେ ବେଲ ପଣା ଓ ଛତୁଆ ସହ ଏହାକୁ ପାଳନ କରନ୍ତି। ଉତ୍ତର ଓଡ଼ିଶାରେ ଏହି ଦିନକୁ ଚଡ଼କପର୍ବ ନାମରେ ପାଳନ କରାଯାଏ।

ଦେହର ଅତ୍ୟଧିକ ତାପ ଶକ୍ତି ସମ ଅବସ୍ଥାକୁ ଆଣିବା ପାଇଁ ପଣାପାନର ବ୍ୟବସ୍ଥା ମଧ୍ୟ ଅଛି। ତେଣୁ ମହାବିଷୁବ ସଂକ୍ରାନ୍ତି ଦିନରେ ବିଭିନ୍ନ ଦେବଦେବୀ ମନ୍ଦିରମାନଙ୍କରେ ଛତୁ ଓ ପଣା ଭୋଗର ବିଧି ରହିଛି। ଏହି ଦିନ ସାଇପଡ଼ିଶା, ବନ୍ଧୁବାନ୍ଧବ ଓ ବ୍ରାହ୍ମଣମାନଙ୍କୁ ପଣା ଦିଆଯାଏ। ତେଣୁ ଏହି ଦିନକୁ ପଣାସଂକ୍ରାନ୍ତି ବୋଲି ମଧ୍ୟ କୁହାଯାଏ।

Advertisment

ପଣାସଂକ୍ରାନ୍ତିଠାରୁ ରାସ୍ତାକଡ଼ରେ ପଥିକମାନଙ୍କର ତୃଷ୍ଣା ନିବାରଣ ପାଇଁ ଜଳଛତ୍ରମାନ ଖୋଲାଯାଏ। ଏହା ସହିତ ଗଛ ମୂଳରେ ଜଳଦାନର ପ୍ରଥା ଆମ ସମାଜରେ ରହିଛି। ସେଥିପାଇଁ ହିନ୍ଦୁ ପରିବାରରେ ଚଉଁରାରେ ପୂଜା ପାଉଥିବା ତୁଳସୀ ବୃକ୍ଷ ଉପରେ ଛାମୁଡ଼ିଆ କରି ଘଡ଼ିରେ ଜଳ ରଖି ତା’ର ତଳେ ସରୁ କଣାକରି ସୂକ୍ଷ୍ମ ଧାରରେ ଜଳଦାନ କରାଯାଇଥାଏ।

ଏହି ସଂକ୍ରାନ୍ତି ପରଠାରୁ ବୃକ୍ଷଜଗତ ଏବଂ ଜୀବଜଗତକୁ ଜଳ ପ୍ରଦାନ କରାଯାଉଥିବାରୁ ଏହି ସଂକ୍ରାନ୍ତିର ଅନ୍ୟ ନାମ ଜଳସଂକ୍ରାନ୍ତି ବୋଲି କହିଥାନ୍ତି। ଏହି ସଂକ୍ରାନ୍ତି ପରଠାରୁ ବାୟୁର ଗତି ମଧ୍ୟ ପ୍ରଖର ହୁଏ। ଉଭୟ ଅଗ୍ନି ଓ ବାୟୁଙ୍କ ପ୍ରକୋପରୁ ରକ୍ଷାପାଇବା ପାଇଁ ଏହି ସମୟରେ ହନୁମାନ ଜୟନ୍ତି ପାଳନ କରାଯାଏ। ଏହିଦିନ ପବିତ୍ର ଝାମୁ ବ୍ରତର ଉଦ୍‌ଯାପନ କରାଯାଏ।

ଯେଉଁମାନେ ଏହି ବ୍ରତ ପାଳନ କରନ୍ତି ତାଙ୍କୁ ପାଟୁଆ ବୋଲି କୁହାଯାଏ। ବ୍ରତ ଉଦ୍‌ଯାପନ ଦିନ ବ୍ରତଧାରୀ କଣ୍ଟା ବା ଜଳନ୍ତା ଅଗ୍ନିରେ ଚାଲନ୍ତି। ଓଡ଼ିଶାର ଅନେକ ଅଞ୍ଚଳରେ ଏହି ବ୍ରତ ଉପଲକ୍ଷେ ଯାତ୍ରା ହୁଏ, ଏହାକୁ ଝାମୁ ବା ପାଟୁଆ ଯାତ୍ରା କହନ୍ତି। ବ୍ରତଧାରୀମାନେ ସମାଜକୁ କଠୋର ତାପ ସହ୍ୟ କରିବାର ଶକ୍ତି ସମ୍ପର୍କରେ ଶିକ୍ଷା ପ୍ରଦାନ କରିଥାନ୍ତି।

Pana Sankranti Odia New Year
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ