• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pramod Behera

ପର୍ବପର୍ବାଣୀର ରାଜ୍ୟ ଓଡ଼ିଶା। ଏଠି ୧୨ ମାସରେ ୧୩ ପର୍ବକୁ ମିଳିମିଶି ପାଳନ କରନ୍ତି ସମସ୍ତ ରାଜ୍ୟବାସୀ। ଗଣପର୍ବ ରଜ ଏଥିରୁ ଅନ୍ୟତମ। ଏହା ରାଜ୍ୟର ଏକ ପାରମ୍ପରିକ ପର୍ବ ହୋଇଥିବା ବେଳେ ଏହାକୁ ଚାରିଦିନ ଧରି ପାଳନ କରାଯାଇଥାଏ। ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିନ ରଜ ସଂକ୍ରାନ୍ତି, ତୃତୀୟ ଦିନ ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିନ ବସୁମତୀ ସ୍ନାନ ଭାବେ ପାଳନ ହୁଏ।

ଧରିତ୍ରୀ ମା’ ବର୍ଷାର ଆଗମନରେ ରଜସ୍ୱଳା ହୁଏ ଓ ନୂଆ ଶସ୍ୟ ଉତ୍ପାଦନର ସାଙ୍କେତିକ ଭାବ ବହନ କରେ। ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି। ରଜରେ ପୋଡ଼ ପିଠା ଓ ପାନଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲଡୁ, ତାସ୍‌, କବାଡି ଆଦି ଖେଳ ସହିତ ଏହା ପାଳନ କରାଯାଏ।

ଆଷାଢ଼ ମାସକୁ ଚତୁର୍ମାସ୍ୟା ବ୍ରତର ପ୍ରଥମ ମାସ ଭାବେ ଧରାଯାଏ। ଏ ଚାରି ମାସ ମୁନି-ଋଷି ଓ ସାଧବମାନେ ସେମାନଙ୍କ ଯାତ୍ରା ତ୍ୟାଗ କରି ଗୋଟିଏ ସ୍ଥାନରେ ରହି ସାଧନା କରୁଥିଲେ। ଏହି ମାସକୁ ଦାମ୍ପତ୍ୟ ଜୀବନର ସର୍ବଶ୍ରେଷ୍ଠ ମାସ ବୋଲି ମଧ୍ୟ ଗ୍ରହଣ କରାଯାଏ।

ଆଷାଢ଼ ମାସରେ ପ୍ରଥମ ବର୍ଷାର ଆଗମନରେ ମେଘ ଓ ମାଟିର ମିଳନ ହୁଏ। ମାଟି ମା' ରଜସ୍ୱଳା ହୁଏ। କୃଷିପ୍ରଧାନ ଦେଶଭାବେ ଖ୍ୟାତି ଲାଭ କରିଥିବା ଆମଦେଶରେ ମାଟି ମା' ବହୁ କିସମର ଫସଲ ଫଳାଇ ଆମରି ହାତରେ ଅଜାଡ଼ି ଦେଇଥାଏ। ମା' ଯେମିତି ପ୍ରଜନନ ପୂର୍ବରୁ ବିଶ୍ରାମ ଆବଶ୍ୟକ କରେ, ସେମିତି ପ୍ରଜନନକ୍ଷମ ହେବାକୁ ଯାଉଥିବା ମାଟି ମା'କୁ ରଜ ତିନିଦିନ ବିଶ୍ରାମ ଦିଆଯାଏ।

କାହିଁକି ହୁଏ ପାଳନ:

ପହିଲି ରଜରେ ଆରମ୍ଭ ହୁଏ ପ୍ରସ୍ତୁତି ପର୍ବ। ତିନିଦିନ ଧରି ଧରିତ୍ରୀ ମାଆକୁ ବିଶ୍ରାମ ଦିଆଯାଏ, ଯେଉଁଥିପାଇଁ ଭୂ-ଖନନ ବାରଣ କରାଯାଏ। ଆଷାଢ଼ର ପହିଲି ବର୍ଷାରେ ମାଟି ମା'ର ପ୍ରଜନନ ଶକ୍ତି ଜାଗ୍ରତ ହୋଇଥାଏ। ଏହି କାରଣରୁ ଧରିତ୍ରୀମାତାକୁ ରଜସ୍ୱଳା ସ୍ତ୍ରୀ ସହିତ ତୁଳନା କରାଯାଏ।

ଅବିବାହିତା ଝିଅଙ୍କ ପାଇଁ ଗର୍ଭଧାରଣ କ୍ଷମତା ପ୍ରାପ୍ତିର ଏକ ସାଙ୍କେତିକ ପର୍ବ ହେଉଛି ରଜ। ଏହି ରଜ ପର୍ବ ପାଳନ ଅବସରରେ ଜଣେ ନାରୀଭାବେ ଆଗାମୀ ଦିନରେ କିଛି କର୍ତ୍ତବ୍ୟ କରିବାକୁ ହେବ, ତାହା କୁମାରୀମାନଙ୍କୁ ଶିଖିବାକୁ ପଡ଼ିଥାଏ। କୁମାରୀମାନେ ରଜପର୍ବର ମଉଜ ଭିତରେ ଜଣେ ନାରୀର ଚଳଣି, ଆଚାର ସଂହିତାକୁ ବିଧିଭାବେ ପାଳି ଥାଆନ୍ତି ଏବଂ ଭବିଷ୍ୟତରେ ଯେତେବେଳେ ଝିଅଟିଏ ନାରୀ ଭୂମିକାରେ ଅବତୀର୍ଣ୍ଣ ହୋଇ କର୍ତ୍ତବ୍ୟ ସମ୍ପାଦନ କରେ, ଏହି ଆଚାର ସଂହିତା ତାକୁ ସାହାଯ୍ୟ କରେ।

ରଜ ତିନିଦିନ ଧରି ରଜସ୍ୱଳା ନାରୀଭାବେ ଧରଣୀମାଆକୁ କଷ୍ଟ ନ ଦେଇ ଭୂମି ଖନନ ନକରି ବିଶ୍ରାମ ଦେଲା ଭଳି କୁମାରୀମାନେ ବିଶ୍ରାମ କରନ୍ତି। ଝିଅବୋହୂମାନଙ୍କ ଭବିଷ୍ୟତ ସାଂସାରିକ ଜୀବନ ସୁଖମୟ କରିବାକୁ ରଜପର୍ବର କଳ୍ପନା କରାଯାଇଛି। ରଜପର୍ବର ବିଧିବିଧାନକୁ ସେମାନେ ନିଜେ ପାଳନକରି ଜଣେ ମା’ର କର୍ତ୍ତବ୍ୟକୁ ସୂଚାରୁ ରୂପେ ତୁଲାଇପାରିବେ ଏବଂ ଭବିଷ୍ୟତରେ ନିଜ ଝିଅମାନଙ୍କୁ ନିଜ ଅନୁଭୂତିରୁ ଶିଖି ସଂସାର ନିୟମ ଶିଖାଇବା ହେଉଛି ଏହି ଏହି ପର୍ବର ଉଦ୍ଦେଶ୍ୟ ବୋଲି କୁହାଯାଏ।

କିପରି ହୁଏ ପାଳନ:

ରଜ ପର୍ବ ପାଳନ ବେଳେ ଘରଣୀମାନେ ସାଧାରଣ କାମରୁ ଛୁଟି ନେଇ ନାନାଦି ଖେଳରେ ନିଜକୁ ମନୋରଂଜନ କରନ୍ତି। ବାଡୁଅ ଝିଅମାନେ ଶାଢ଼ୀ ପିନ୍ଧି ରଜ ଦୋଳି ଖେଳ, ପୁଚି ଖେଳ ଆଦିରେ ସମୟ ଅତିବାହିତ କରିଥାନ୍ତି। ଏହିଦିନ ଧରିତ୍ରୀ ମା’କୁ ସମ୍ମାନ ଦେଇ କେହି ଭୂଇଁ ଉପରେ ଖାଲି ପାଦରେ ଚାଲି ନଥାନ୍ତି । ପତ୍ର/ଖୋଳପାରେ ତିଆରି ପାଦୁକାରେ ଭୂଇଁ ଉପରେ ଚାଲିବାର ବିଧି ରହିଛି। ଏହିଦିନ ପୋଡ଼ପିଠା, ଚକୁଳି ପିଠା ଆଦି ଖିଆଯାଇଥାଏ।

ଅନ୍ତିମ ଦିବସ:

ବସୁମତୀ ସ୍ନାନ ହେଉଛି ରଜ ପର୍ବର ଅନ୍ତିମ ଦିବସ। ଏହା ବସୁଧା ମା’ଙ୍କ ସ୍ନାନ। ପ୍ରାପ୍ତ ସକାଳୁ ଶିଳପୁଆରେ ହଳଦୀ କନା ଗୁଡ଼ାଇ ସିନ୍ଦୂର, କଜଳ ଦେଇ ବସୁମାତାଙ୍କ ସ୍ୱରୂପକୁ ସଜାଇ ପିଢ଼ା ଉପରେ ସ୍ଥାପନା କରି କଳସ ଆମ୍ବ ଡାଳ ରଖି କ୍ଷୀର ଦେଇ ସ୍ନାନ କରାଯାଏ। ମାସିକ ଧର୍ମର ବିଧି ଅନୁଯାୟୀ ଧରଣୀ ମାତା ତିନିଦିନ ବିଶ୍ରାମ ପରେ ସ୍ନାନ କରି ଶୁଦ୍ଧ ପବିତ୍ର ହୋଇଥା’ନ୍ତି।

ମାର୍ଗଶୀର ଶେଷ ଗୁରୁବାର ଦିନ ବନ୍ଦ ହୋଇଥିବା ମହାଲକ୍ଷ୍ମୀ ପେଡ଼ି ଏହିଦିନ ଖୋଲାଯାଇଥାଏ। ରଜସ୍ୱଳା ନାରୀ ସଦୃଶ ତିନିଦିନ ଅସ୍ପୃଶ୍ୟ ହୋଇ ରହିବା ପରେ ଚତୁର୍ଥ ଦିନ ପ୍ରାତଃ କାଳରେ ଏହି ଶୁଦ୍ଧ ସ୍ନାନ କରାଯାଏ। ବସୁମତୀ ସ୍ନାନ ଦିନ ଧରଣୀ ମା’ ପ୍ରତି ଭକ୍ତିଭାବ ଜାଗ୍ରତ ହୋଇଥାଏ।