ରଜ ପର୍ବ କାହିଁକି ଓ କିପରି ପାଳନ କରାଯାଏ

ଓଡ଼ିଶାର ଜାତୀୟ ପର୍ବ ରଜ। ବସୁଧା, ପ୍ରକୃତି ମାତାକୁ ପୂଜା କରିବାର ଏକ ଅନନ୍ୟ ପରମ୍ପରା। କୃଷିଭିତିକ ସାମାଜିକ ଚଳଣିରେ ଏକ ଗୁରୁତ୍ୱପୂର୍ଣ୍ଣ ମନୋରଞ୍ଜନର ଆସର ହେଉଛି ରଜ। ରାଜ୍ୟର ଏହି ଗଣପର୍ବକୁ କାହିଁକି ଓ କିପରି ପାଳନ କରାଯାଏ ଆସନ୍ତୁ ଜାଣିବା।

ରଜ ପର୍ବ କାହିଁକି ଓ କିପରି ପାଳନ କରାଯାଏ

ରଜ ଓଡ଼ିଶାର ଗଣପର୍ବ। ଏହା ରାଜ୍ୟର ଏକ ପାରମ୍ପରିକ ପର୍ବ ହୋଇଥିବା ବେଳେ ଏହାକୁ ଚାରିଦିନ ଧରି ପାଳନ କରାଯାଇଥାଏ। ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିନ ରଜ ସଂକ୍ରାନ୍ତି, ତୃତୀୟ ଦିନ ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିନ ବସୁମତୀ ସ୍ନାନ ଭାବେ ପାଳନ ହୁଏ।

ପୃଥିବୀ ମାତା ବର୍ଷାର ଆଗମନରେ ରଜସ୍ୱଳା ହୁଏ ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରେ। ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି। ରଜରେ ପୋଡ଼ ପିଠା ଓ ପାନଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ୍‌, ବାଗୁଡ଼ି ଆଦି ଖେଳି ସହିତ ଏହା ପାଳନ କରାଯାଏ।

ଆଷାଢ ମାସକୁ ଚତୁର୍ମାସ୍ୟା ବ୍ରତର ପ୍ରଥମ ମାସ ଭାବେ ଧରାଯାଏ। ଏ ଚାରି ମାସ ମୁନି ଋଷି ଓ ସାଧବମାନେ ସେମାନଙ୍କ ପରିଭ୍ରମଣ ତ୍ୟାଗ କରି ଗୋଟିଏ ସ୍ଥାନରେ ରହି ସାଧନା କରିଥାନ୍ତି। ଏହି ମାସକୁ ଦାମ୍ପତ୍ୟ ଜୀବନର ସର୍ବଶ୍ରେଷ୍ଠ ମାସ ବୋଲି ଗ୍ରହଣ କରାଯାଏ।

ଆଷାଢ଼ ମାସରେ ପ୍ରଥମ ବର୍ଷାର ଆଗମନରେ ମେଘ ଓ ମାଟିର ମିଳନ ହୁଏ। ମାଟି ମା' ରଜସ୍ୱଳା ହୁଏ। କୃଷିପ୍ରଧାନ ଦେଶଭାବେ ଖ୍ୟାତି ଲାଭ କରିଥିବା ଆମଦେଶରେ ମାଟି ମା' ବହୁ କିସମର ଫସଲ ଫଳାଇ ଆମରି ହାତରେ ଅଜାଡ଼ି ଦିଏ। ମା' ଯେମିତି ପ୍ରଜନନ ପୂର୍ବରୁ ବିଶ୍ରାମ ଆବଶ୍ୟକ କରେ, ସେମିତି ପ୍ରଜନନକ୍ଷମ ହେବାକୁ ଯାଉଥିବା ମାଟି ମା'କୁ ରଜ ତିନିଦିନ ବିଶ୍ରାମ ଦିଆଯାଏ।

ରଜ ପର୍ବ କାହିଁକି:

ପହିଲି ରଜରେ ଆରମ୍ଭ ହୁଏ ପ୍ରସ୍ତୁତି ପର୍ବ। ତିନିଦିନ ଧରି ଧରଣୀ ମାଆକୁ ବିଶ୍ରାମ ଦିଆଯାଏ, ଯେଉଁଥିପାଇଁ ଭୂ ଖନନ ବାରଣ କରାଯାଏ। ଆଷାଢ଼ର ପହିଲି ବର୍ଷାରେ ମାଟି ମା'ର ପ୍ରଜନନ ଶକ୍ତି ଜାଗ୍ରତ ହୋଇଥାଏ। ଏହି କାରଣରୁ ଧରଣୀମାତାକୁ ରଜସ୍ୱଳା ସ୍ତ୍ରୀ ସହିତ ତୁଳନା କରାଯାଏ।

ଅବିବାହିତା ଝିଅଙ୍କ ପାଇଁ ଗର୍ଭଧାରଣ କ୍ଷମତା ପ୍ରାପ୍ତିର ଏକ ସାଙ୍କେତିକ ପର୍ବ ହେଉଛି ରଜ। ଏହି ରଜ ପର୍ବ ପାଳନ ଅବସରରେ ଜଣେ ନାରୀଭାବେ ଆଗାମୀ ଦିନରେ କିଛି କର୍ତ୍ତବ୍ୟ କରିବାକୁ ହେବ, ତାହା କୁମାରୀମାନଙ୍କୁ ଶିଖିବାକୁ ପଡ଼ିଥାଏ। କୁମାରୀମାନେ ରଜପର୍ବର ମଉଜ ଭିତରେ ଜଣେ ନାରୀର ଚଳଣି, ଆଚାର ସଂହିତାକୁ ବିଧିଭାବେ ପାଳିଥାଆନ୍ତି ଏବଂ ଭବିଷ୍ୟତରେ ଯେତେବେଳେ ଝିଅଟିଏ ନାରୀ ଭୂମିକାରେ ଅବତୀର୍ଣ୍ଣ ହୋଇ କର୍ତ୍ତବ୍ୟ ସମ୍ପାଦନ କରେ, ଏହି ଆଚାର ସଂହିତା ତାକୁ ସହାଯ୍ୟ କରେ।

ରଜ ତିନିଦିନ ଧରି ରଜସ୍ୱଳା ନାରୀଭାବେ ଧରଣୀମାଆକୁ କଷ୍ଟ ନ ଦେଇ ଭୂମି କର୍ଷଣ ନ କରି ବିଶ୍ରାମ ଦେଲା ଭଳି କୁମାରୀମାନେ ବିଶ୍ରାମ କରନ୍ତି। ଝିଅବୋହୂମାନଙ୍କ ଭବିଷ୍ୟତ ସାଂସାରିକ ଜୀବନ ସୁଖମୟ କରିବାକୁ ରଜପର୍ବର କଳ୍ପନା କରାଯାଇଛି। ରଜପର୍ବର ବିଧିବିଧାନକୁ ସେମାନେ ନିଜେ ପାଳନ କରି ଜଣେ ମାଆର କର୍ତ୍ତବ୍ୟକୁ ସୂଚାରୁ ରୂପେ ତୁଲାଇ ପାରିବେ ଏବଂ ଭବିଷ୍ୟତରେ ନିଜ ଝିଅମାନଙ୍କୁ ନିଜ ଅନୁଭୂତିରୁ ଶିଖି ସଂସାର ନିୟମ ଶିଖାଇବେ।

କିପରି ପାଳନ ହୁଏ:

ଏହି ପର୍ବ ପାଳନ ବେଳରେ ଘରଣୀମାନେ ସାଧାରଣ କାମରୁ ଛୁଟି ନେଇ ନାନାଦି ଖେଳରେ ମାତନ୍ତି। ଅଭିଆଡ଼ି ଝିଅମାନେ ଶାଢ଼ୀ ପିନ୍ଧି ରଜ ଦୋଳି ଖେଳ, ପୁଚି ଖେଳ ଆଦିରେ ସମୟ ଅତିବାହିତ କରିଥାନ୍ତି। ଏହି ଦିନ ଧରିତ୍ରୀ ମାଆକୁ ସମ୍ମାନ ଦେଇ କେହି ଭୂଇଁ ଉପରେ ଖାଲି ପାଦରେ ଚାଲିନଥାନ୍ତି । ପତ୍ର/ଖୋଳପାରେ ତିଆରି କଠଉରେ ଭୂଇଁ ଉପରେ ଚାଲିବାର ବିଧି ରହିଛି। ଏହି ଦିନ ପୋଡ଼ ପିଠା, ଚକୁଳି ପିଠା ଆଦି ଖିଆଯାଇ ଥାଏ।

ବସୁମତୀ ସ୍ନାନ ହେଉଛି ରଜ ପର୍ବର ଅନ୍ତିମ ଦିବସ। ଏହା ବସୁଧା ମାତାଙ୍କ ସ୍ନାନ। ପ୍ରାପ୍ତ ସକାଳୁ ଶିଳପୁଆରେ ହଳଦୀ କନା ଗୁଡ଼ାଇ ସିନ୍ଦୂର, କଜଳ ଦେଇ ବସୁମାତାଙ୍କ ସ୍ୱରୂପକୁ ସଜାଇ ପିଢ଼ା ଉପରେ ସ୍ଥାପନା କରି କଳସ ଆମ୍ବ ଡାଳ ରଖି କ୍ଷୀର ଦେଇ ସ୍ନାନ କରାଯାଏ। ମାସିକ ଧର୍ମର ବିଧି ଅନୁଯାୟୀ ଧରଣୀ ମାତା ତିନିଦିନ ବିଶ୍ରାମ ପରେ ସ୍ନାନ କରି ଶୁଦ୍ଧ ପବିତ୍ର ହୋଇଥା’ନ୍ତି।

ମାର୍ଗଶୀର ଶେଷ ଗୁରୁବାର ଦିନ ବନ୍ଦ ହୋଇଥିବା ମହାଲକ୍ଷ୍ମୀ ପେଡ଼ି ଏହି ଦିନ ଖୋଲାଯାଇଥାଏ। ରଜସ୍ୱଳା ନାରୀ ସଦୃଶ ତିନିଦିନ ଅସ୍ପୃଶ୍ୟ ହୋଇ ରହିବା ପରେ ଚତୁର୍ଥ ଦିନ ପ୍ରାତଃ କାଳରେ ଏହି ଶୁଦ୍ଧ ସ୍ନାନ କରାଯାଏ। ବସୁମତୀ ସ୍ନାନ ଦିନ ଧରଣୀ ମା’ ପ୍ରତି ଭକ୍ତିଭାବ ଜାଗ୍ରତ ହୋଇଥାଏ।