• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pramod Behera

ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା ରଥଯାତ୍ରାର ଆଦ୍ୟ ପର୍ବ। ଏହି ଦିନରୁ ହିଁ ଆରମ୍ଭ ହୋଇଥାଏ ଶ୍ରୀଜିଉଙ୍କ ରଥଯାତ୍ରା ପର୍ବ। ସ୍ନାନମଣ୍ଡପରେ ମହାପ୍ରଭୁଙ୍କ ମହାସ୍ନାନ ଦେଖି ଚର୍ମଚକ୍ଷୁକୁ ପବିତ୍ର କରିବା ପାଇଁ ଚାହିଁ ବସିଥାନ୍ତି ଭକ୍ତଗଣ।

ତେବେ ଏହି ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ପାଳନ କରାଯାଏ। ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ସହିତ ୧୦୮ କଳସୀ ଜଳରେ ସ୍ନାନ କରାଯାଏ। ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଏ। ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ। ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ।

କ’ଣ କୁହେ ଇତିହାସ:

ଦାରୁବ୍ରହ୍ମଙ୍କ ଲୀଳାକ୍ଷେତ୍ର ପୁରୁଷୋତ୍ତମ କ୍ଷେତ୍ରରେ ମହାପ୍ରଭୁଙ୍କ ସ୍ନାନ ଉତ୍ସବ ଏକ ଶାସ୍ତ୍ରୀୟ ଭିତ୍ତିଭୂମିର ଲୀଳା। ମହାପ୍ରଭୁଙ୍କ ଆବିର୍ଭାବ ବେଳେ ପ୍ରଥମେ ଏହି ସ୍ନାନ ହୋଇଥିବାରୁ ଏହାକୁ ଆଦ୍ୟଲୀଳା ବୋଲି କୁହାଯାଏ। ମହାପ୍ରଭୁ ଦାରୁବ୍ରହ୍ମ ରୂପ ଧାରଣ କରିବା ପରେ ପ୍ରଥମ ଏହି ସ୍ନାନଲୀଳା କରାଇଥିଲେ ମହାରାଜା ଇନ୍ଦ୍ରଦ୍ୟୁମ୍ନ। ସେତେବେଳେ ସ୍ନାନମଣ୍ଡପ ନଥିବାରୁ ଏକ କାଠର ମଞ୍ଚ ନିର୍ମାଣ କରାଯାଇ ତାହା ଉପରେ ସ୍ନାନବିଧି ସମାପନ ହୋଇଥିଲା । ସେଥିପାଇଁ ଅନେକ ଶାସ୍ତ୍ରରେ ଏହା ମଞ୍ଚସ୍ନାନ ବୋଲି ଉଲ୍ଲେଖ ହୋଇଛି।

ଶାନ୍ତ୍ର ମତରେ ସେତେବେଳେ ୧୦୮ ସୁନା କଳସରେ ଅଭିମନ୍ତ୍ରିତ ପବିତ୍ର ଜଳରେ ଦାରୁବ୍ରହଙ୍କ ଆଦ୍ୟ ସ୍ଥାନଲୀଳା ସମାପନ ହୋଇଥିଲା। ସେହି ଶାସ୍ତ୍ରୀୟ ମତକୁ ଅନୁସରଣ କରି ଆଜି ବି ସେହିପରି ସ୍ନାନଯାତ୍ରା ଅନୁଷ୍ଠିତ ହେଉଛି। ଜ୍ୟୋଷ୍ଠମାସ ପୂର୍ଣ୍ଣମୀରେ ମହାପ୍ରଭୁଙ୍କ ପ୍ରଥମ ସ୍ନାନଲୀଳା ଜାତି, ବର୍ଣ୍ଣ, ନିର୍ବିଶେଷରେ ସମସ୍ତେ ଦର୍ଶନ କରିଥିବାରୁ ଏହି ଲୀଳାକୁ ପତିତପାବନ ଲୀଳା ମଧ୍ୟ କୁହାଯାଏ।

ଉପଚାର ବିଧି:

ସ୍ନାନ ପୂର୍ଣ୍ଣିମା ପୂର୍ବଦିନ ସାଧାରଣ ଦିନ ପରି ଶ୍ରୀମନ୍ଦିରରେ କବାଟଫିଟା, ପାହାନ୍ତିଆ ଅବକାଶ, ଗୋପାଳବଲ୍ଲଭ, ସକାଳଧୂପ, ଦ୍ୱିପ୍ରହରଧୂପ ଆଦି ସମସ୍ତ ନୀତିର ସମାପନ ପରେ ସ୍ୱଳ୍ପ ସମୟ ପାଇଁ ପହୁଡ଼ ହୁଏ ଓ ପରେ ପରେ ସ୍ନାନ ପୂର୍ଣ୍ଣିମାର ବିଧି ଆରମ୍ଭ ହେଇଯାଏ।

ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦଇତାମାନେ ପହଣ୍ଡି କରାଉଥିବା ବେଳେ ମଦନମୋହନଙ୍କୁ କେବଳ ମହାଜନ ସେବକମାନେ (ବ୍ରାହ୍ମଣ ଗୋଷ୍ଠୀର ସେବକ) ବିଜେ କରାଇଥାନ୍ତି। ପହଣ୍ଡି ବିଜେ ସମୟରେ ସାତ ପାହଚ ଉପରେ ଠାକୁରମାନେ ଚୂଳ ଓ ଟାହିଆ ଲାଗି ହୁଅନ୍ତି। ଏହି ସାତପାହଚ ଉପରେ ଟାହ୍ୟାନାଗି ହେବା ପରେ ଦ୍ୱିତୀୟ ମଙ୍ଗଳାର୍ପଣ ହୁଏ। ତା’ପରେ ବନ୍ଦାପନା ଓ ପରେ ପରେ ରାଘବଦାସ ମଠରୁ ଆସିଥିବା ଘଷା ନାଗି କରାଯାଏ।

ଏ ସବୁ ସରିବା ପରେ ପନ୍ତି ଖାଇ ଖାଇ ଠାକୁରମାନେ ସ୍ନାନବେଦିକୁ ଯାଇ ନିଜର ଆସ୍ଥାନ ଉପରେ ଅବସ୍ଥାନ କରନ୍ତିl ସୁଆର ବଡୁ ଅମ୍ଭୂଣିଆ ପାଣି ଛିଞ୍ଚନ୍ତି l ଗରାବଡୁ ସୁବର୍ଣ୍ଣକଳସ ଧରି ଶିତଳାଦେବୀଙ୍କ ସମ୍ମୁଖସ୍ଥ ଓ ବର୍ଷତମାମ ଅପବ୍ୟବହୃତ ହୋଇ ରହିଥିବା ସ୍ୱର୍ଣ୍ଣକୂପରୁ ଜଳ ଆଣନ୍ତି। ଦେବସ୍ନାନ ପୂର୍ଣ୍ଣିମାର ପୂର୍ବ ଦିନ ମହାପ୍ରଭୁଙ୍କ ପାଇଁ ଶ୍ରୀମନ୍ଦିରର ଦେବଯାନ ମାର୍ଗରେ ଅବା ସୁନା କୂଅରୁ ୧୦୮ କଳସ ଜଳ ସଂଗ୍ରହ କରାଯାଏ।

କୂଅର ବ୍ୟବହାର ବର୍ଷସାରା ନ ଥିବାରୁ ଜନପଦୀୟ ତାନ୍ତ୍ରିକ ପରମ୍ପରାରେ ଏହି ଜଳକୁ ଅଣତୁଠ ପାଣି ବୋଲି କୁହାଯାଏ। ସ୍ନାନଲୀଳାରେ ବୈଦିକ ବିଧିରେ ସ୍ନାନ ଜଳ ଅଭିମନ୍ତ୍ରିତ ହେଉଥିବା ବେଳେ ସ୍ନାନ କାଳରେ ତାନ୍ତ୍ରିକ ବିଧିରେ ତେରଟି ପଦାର୍ଥ ମିଶ୍ରଣ କରାଯାଏ। ଯଜ୍ଞ ପରମ୍ପରାରେ ଏହି କୂଅକୁ ‘ପ୍ରଣୀତାକୂପ' ବୋଲି କୁହାଯାଏ।

ପ୍ରାଚୀନ କାଳରେ ମଧ୍ୟ ଓଡ଼ିଶାରେ ଛୁଆଟିଏ ଜନ୍ମ ହେଲେ ତାହାକୁ ଅଣତୁଠ ପାଣି ମିଶ୍ରଣ କରାଯାଇ ସ୍ନାନ କରିବାର ପରମ୍ପରା ରହିଥିଲା। ଏହାଦ୍ୱାରା ଦୁଷ୍ଟ ଶକ୍ତିଙ୍କ ପ୍ରଭାବ କଅଁଳା ପିଲାଙ୍କ ଉପରେ ପଡ଼େ ନାହିଁ। ଅଭିମନ୍ତ୍ରିତ ହୋଇଥିବା ଜଳରେ ୧୦୮ କଳସରେ ଅଷ୍ଟବନ୍ଧ, କୃଷ୍ଣ-ଅଗୁରୁ, ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳକୀ, ସଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀ ଓ ଲୋଧା ମିଶ୍ରଣ କରାଯାଏ।

ଏହି ଜଳରୁ ୩୫ ଗରା ଜଗନ୍ନାଥଙ୍କୁ, ୩୩ ଗରା ବଳଭଦ୍ରଙ୍କୁ, ୨୨ ଗରା ସୁଭଦ୍ରାଙ୍କୁ ଓ ୧୮ ଗରା ସୁଦର୍ଶନଙ୍କୁ ସ୍ନାନ କରାଯାଏ। ଏହାକୁ "ପ୍ରତ୍ୟେକ୍ଷ ଅବକାଶ" କହନ୍ତି। ପ୍ରଭୁଙ୍କୁ ଏହି ଦିନ ଗଜାନନ ବେଶ କରାଯାଏ। ଏହି ଦିନ ରାଘବଦାସ ମଠ ପକ୍ଷରୁ ଦେବୀ ସୁଭଦ୍ରାଙ୍କୁ ଫୁଲଚୂଳ, ଚନ୍ଦ୍ରିକା ଓ ଛତ୍ରି ନାଗି କରାଯାଇ ବେଶ କରାଯାଏ। ଗୋପାଳତୀର୍ଥ ମଠ ଦ୍ୱାରା ପ୍ରଦତ୍ତ ଶ୍ରୀବଳଭଦ୍ରଙ୍କୁ ଗଜାନନ ବେଶ ଓ ଶୁଦର୍ଶନଙ୍କୁ ଚକ୍ର ଲାଗି କରାଯାଏ। ଏହିଦିନ ତିନି ଧୂପ ବଦଳରେ ଗୋଟିଏ ଧୂପ ଦିଆଯାଏ।

ତା’ପରେ ଠାକୁରମାନେ ଶ୍ରୀମନ୍ଦିରକୁ ଗୋଟି ପହଣ୍ଡିରେ ଫେରନ୍ତି । ଭିତର କାଠପାଖ ଅଣସର ପିଣ୍ଡିରେ ଠାକୁରମାନେ ବିଜେ କରିବା ପରେ ତାଟି ବନ୍ଧାଯାଏ ଓ ପଟି ପୂଜା କରାଯାଏ। ତାପରେ ଏହି ଚତୁର୍ଧାମୂର୍ତ୍ତି ସ୍ନାନପୂର୍ଣ୍ଣିମାଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଦୀର୍ଘ ୧୫ ଦିନ ଧରି ଜ୍ୱରରେ ପଡ଼ନ୍ତି। ଏହାକୁ ଅଣସର କୁହାଯାଏ। ଏହି ୧୫ ଦିନ ଭକ୍ତମାନେ ଜିଉମାନଙ୍କର ଦର୍ଶନ ପାଆନ୍ତି ନାହିଁ। ଏହି ସମୟରେ ଭକ୍ତମାନେ ନିକଟସ୍ଥ ବ୍ରହ୍ମଗିରିରେ ପୂଜିତ ହେଉଥିବା ଅଲାରନାଥଙ୍କୁ ଦର୍ଶନ କରନ୍ତି।

ମହାପ୍ରଭୁଙ୍କ ଗଜାନନ ବେଶ:

ଦେବସ୍ନାନ ପୂର୍ଣ୍ଣିମା ଦିନ ଚତୁର୍ଦ୍ଧା ମୂର୍ତ୍ତି, ସ୍ନାନ ପରେ ଗଜବେଶରେ ସଜ୍ଜିତ ହୁଅନ୍ତି। କିମ୍ବଦନ୍ତୀ କୁହେ ଯେ ମହାରାଷ୍ଟ୍ରର ଏକ ବ୍ରାହ୍ମଣ ଗଣପତି ଭଟ୍ଟ ଥରେ ଶ୍ରୀକ୍ଷେତ୍ରର ମହିମା ବିଷୟରେ ଶୁଣି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଆସିଲେ। ସେ ଭଗବାନ ଗଣେଶଙ୍କର ଭକ୍ତ ଥିଲେ। ତେଣୁ ଦାରୁ ବିଗ୍ରହଙ୍କ ଦର୍ଶନ କରି, ଗଜ ରୂପ ନଦେଖି ସେ ତାଙ୍କୁ ପରମବ୍ରହ୍ମ ବୋଲି ମାନିବାକୁ ଅସ୍ୱୀକାର କଲେ ଏବଂ କ୍ଷୁବ୍ଧ ହୋଇ ମନ୍ଦିର ତ୍ୟାଗ କଲେ।

ପରଦିନ ଦେବସ୍ନାନ ପୂର୍ଣ୍ଣିମା ଥିଲା। ମହାପ୍ରଭୁଙ୍କ ଆଦେଶରେ ବଡ଼ପଣ୍ଡା ଗଣପତି ଭଟ୍ଟଙ୍କୁ ସ୍ନାନ ଯାତ୍ରା ଦେଖିବା ପାଇଁ ଆମନ୍ତ୍ରଣ କଲେ। ତାଙ୍କ ଦୃଷ୍ଟି ସମ୍ମୁଖରେ ଦାରୁ ବିଗ୍ରହ ଶ୍ରୀଜଗନ୍ନାଥଙ୍କ ରୂପ ପରିବର୍ତ୍ତନ ହୋଇ ଗଣପତି ରୂପ ହୋଇଗଲା। ଏ ଅଲୌକିକ ଘଟଣା ଦେଖି ତାଙ୍କର ଜ୍ଞାନୋଦୟ ହେଲା ଏବଂ ସେ ନିଜର ଭୁଲ ବୁଝିପାରିଲେ। ତାଙ୍କ ପ୍ରାର୍ଥନାରେ ସନ୍ତୁଷ୍ଟ ହୋଇ ମହାପ୍ରଭୁ ତାଙ୍କୁ ବର ପ୍ରଦାନ କଲେ ଯେ, ପ୍ରତିବର୍ଷ ଏହି ଦିନରେ ସେ ଗଜବେଶ ଧାରଣ କରିବେ। ଏହି ଘଟଣା ପରଠାରୁ ପ୍ରତିବର୍ଷ ଚତୁର୍ଦ୍ଧା ମୂର୍ତ୍ତି ସ୍ନାନ ପୂର୍ଣ୍ଣିମାରେ ଗଜବେଶ ଧାରଣ କରନ୍ତି।