Advertisment

କେଉଁ ତିନୋଟି ବର ମାଗିଥିଲେ ସତୀ ସାବିତ୍ରୀ, ଜାଣନ୍ତୁ...

ଆଜି ସାବିତ୍ରୀ ଅମାବାସ୍ୟା...ଆଜିର ଦିନରେ ନିଜ ସ୍ୱାମୀଙ୍କ ଜୀବନ ଯମରାଜଙ୍କ ଠାରୁ ବଞ୍ଚାଇବାରେ ସକ୍ଷମ ହୋଇଥିଲେ ମହା ସତୀ ସାବିତ୍ରୀ...ସେହି ଦିନ ଠାରୁ ସ୍ବାମୀଙ୍କ ପରମାୟୁ ଲାଗି ପତ୍ନୀ ମାନେ ସାବିତ୍ରୀ ବ୍ରତ ପାଳନ କରି ଆସୁଛନ୍ତି । ହେଲେ ଜାଣନ୍ତି କି କେଉଁ ତିନୋଟି ବର ମାଗିଥିଲେ ସତୀ ସାବିତ୍ରୀ ?

author-image
Otv Khabar Bureau
ଅଦ୍ୟତନ ହୋଇଛି
 Savitri Brata: Read to learn the history & signific

Savitri Brata: Read to learn the history & signific

ଦେବୀ ସାବିତ୍ରୀଙ୍କ ମାନବୀ ସାବିତ୍ରୀଙ୍କ ପ୍ରତି ଆଶୀର୍ବାଦ ଓ କରୁଣା କିପରି ସତ୍ୟବାନଙ୍କୁ ମୃତ୍ୟୁ କବଳରୁ ଫେରାଇ ଆଣିଲା, ତାହାକୁ ଆଧାର କରି ମା ସାବିତ୍ରୀଙ୍କୁ ମହିମାନ୍ୱିତ କରାଯାଇଥାଏ। ଓଡ଼ିଶାରେ ବାର ମାସରେ ତେର ପର୍ବ ଭିତରେ ସାବିତ୍ରୀ ବ୍ରତ ଅନ୍ୟତମ। ସାବିତ୍ରୀ ଓଷା ବା ସାବିତ୍ରୀ ବ୍ରତ ଓଡ଼ିଶାରେ ସଧବା ନାରୀମାନଙ୍କ ପାଳିତ ଏକ ମୁଖ୍ୟ ଓଷା। ସାବିତ୍ରୀ ସାଧ୍ୱୀ ନାରୀଙ୍କର ଆଦର୍ଶ। ତେଣୁ ନିଜ ପତିଙ୍କର ଦୀର୍ଘ ଆୟୁଷ ନିମନ୍ତେ ମଙ୍ଗଳ ମନାସି, ସଧବା ସ୍ତ୍ରୀମାନେ ସାବିତ୍ରୀଙ୍କ ପରି ଆଜୀବନ ସଧବା ହେବା ପାଇଁ ଏହି ଓଷା ପାଳନ କରିଥାଆନ୍ତି।

Advertisment

ଜ୍ୟୈଷ୍ଠ ଅମାବାସ୍ୟା ଦିନ ସାବିତ୍ରୀ ଓଷା ପାଳନ କରାଯାଇଥାଏ। ଏହି ଦିନ ସଧବା ସ୍ତ୍ରୀ ଲୋକମାନେ ଉପବାସ କରନ୍ତି, ଅନ୍ନ ଗ୍ରହଣ କରନ୍ତି ନାହିଁ। ଅପରାହ୍ଣରେ ପୂଜା ଶେଷ ହେଲେ ଧୂଆମୁଗ, ନଡ଼ିଆ, କଦଳୀ, ଆମ୍ବ, ପଣସ, ସପୁରୀ, ତାଳସଜ ଆଦି ଫଳାହାର କରନ୍ତି। ଏଥିପାଇଁ ଚଉଁରା ମୂଳେ ବା ଠାକୁର ଘରେ ବ୍ରତୋତ୍ସବ ପାଳନ ବେଳେ ସାବିତ୍ରୀ ଉପାଖ୍ୟାନ ପାଠ କରାଯାଏ। ବାସ୍ତବରେ ଏ’ ପୂଜାର ଆରାଧ୍ୟା ଦେବୀ ହେଉଛନ୍ତି ମା’ ସାବିତ୍ରୀ। ସାବିତ୍ରୀ ବ୍ରହ୍ମାଙ୍କ ପତ୍ନୀ, ଗାୟତ୍ରୀ, ସୂର୍ଯ୍ୟାଧିଷ୍ଠାତ୍ରୀ ଦେବୀ। ଦେବୀ ସାବିତ୍ରୀଙ୍କ ମାନବୀ ସାବିତ୍ରୀଙ୍କ ପ୍ରତି ଆଶୀର୍ବାଦ ଓ କରୁଣା କିପରି ସତ୍ୟବାନଙ୍କୁ ମୃତ୍ୟୁ କବଳରୁ ଫେରାଇ ଆଣିଲା, ତାହାକୁ ଆଧାର କରି ମା’ସାବିତ୍ରୀଙ୍କୁ ମହିମାନ୍ୱିତ କରାଯାଇଥାଏ।

ସାବିତ୍ରୀ: ଜଣେ ସତୀର କାହାଣୀ :-

ମଦ୍ର ଦେଶରେ ଅଶ୍ୱପତି ନାମରେ ଜଣେ ରାଜା ରାଜତ୍ୱ କରୁଥିଲେ। ସେ ଥରେ ଏକ ଯଜ୍ଞର ଆୟୋଜନ କଲେ। ଯଜ୍ଞରେ ସନ୍ତୁଷ୍ଟ ହୋଇ ଦେବୀ ଅଶ୍ୱପତିଙ୍କୁ ଦର୍ଶନ ଦେଇ ମନ ମୁତାବକ ବର ମାଗିବାକୁ କହିଲେ। ରାଜା ନିଃସନ୍ତାନ ଥିବାରୁ ପୁତ୍ର ସନ୍ତାନ ପାଇଁ ଦେବୀଙ୍କ ପାଖରେ ମିନତୀ କଲେ। ଦେବୀ ରାଜାଙ୍କୁ ପୁତ୍ର ସନ୍ତାନ ଲାଭ କରିବା ଯୋଗ ନ’ଥିବା ସୂଚାଇ ଦେଇ ଏକ ଉତ୍ତମ କନ୍ୟା ହେବାର ଆର୍ଶିବାଦ ଦେଇ ଅନ୍ତର୍ଦ୍ଧାନ ହୋଇଗଲେ। ଉପଯୁକ୍ତ ସମୟରେ ଦେବୀଙ୍କ କୃପାରୁ ଅଶ୍ୱପତିଙ୍କ ପତ୍ନୀଙ୍କ କୋଳରେ କନ୍ୟାଟିଏ ଜାତ ହେଲା। ସାବିତ୍ରୀ (ଗାୟତ୍ରୀ)ଙ୍କୁ ଉପାସନା କରି ତାଙ୍କ ଆଶୀର୍ବାଦରୁ କନ୍ୟା ସନ୍ତାନଟିଏ ଲାଭ କରି ଥିବାରୁ ରାଜା ତାହାର ନାମ ସାବିତ୍ରୀ ରଖିଥିଲେ। ସାବିତ୍ରୀ କ୍ରମେ ଯୌବନରେ ପାଦ ଦେବା ପରେ ପିତା ଅଶ୍ୱପତିଙ୍କ ଆଦେଶମତେ ନିଜ ଇଚ୍ଛାରେ ବର ଖୋଜିବାକୁ ସମ୍ମତି ପ୍ରକାଶ କରି ସହଚରୀ ମାନଙ୍କ ସହ ପତି ଅନ୍ୱେଷଣାର୍ଥେ ଭ୍ରମଣ କରିବାକୁ ବାହାରିଲେ।

Advertisment

ଶାଲ୍ୱ ଦେଶର ରାଜା ଦ୍ୟୁମତସେନଙ୍କ ଔରସରେ ଶୈବ୍ୟାଙ୍କ ଗର୍ଭରୁ ସତ୍ୟବାନ ଜନ୍ମଗ୍ରହଣ କରିଥିଲେ। ଦୈବୀ ଦୁର୍ବିପାକରୁ ସତ୍ୟବାନଙ୍କ ଶୈଶବାସ୍ଥାରେ ଦ୍ୟୁମତସେନ ଅନ୍ଧ ଓ ଭ୍ରଷ୍ଟରାଜ୍ୟ ହୋଇ ବନବାସୀ ହୋଇ ଯାଇଥିଲେ। ସତ୍ୟବାନ ବଣରେ ଫଳମୂଳ ଖାଇ ମୁନିବୃତ୍ତି ଅବଲମ୍ବନ କରି ଭକ୍ତି ସହକାରେ ପିତାମାତାଙ୍କର ସେବା କରୁଥିଲେ। ସାବିତ୍ରୀ ଭ୍ରମଣ କରୁକରୁ ସେହି ବଣରେ ପହଞ୍ଚି ସତ୍ୟବାନଙ୍କ ଅସୀମ ପିତୃଭକ୍ତି, ଧର୍ମପରାୟଣାତା ଓ ରୂପରେ ମୁଗ୍ଧ ହୋଇ ଐଶ୍ୱର୍ଯ୍ୟ ଭୋଗଲାଳସା ତ୍ୟାଗ କରି ଏହାଙ୍କ ସଙ୍ଗରେ ଜୀବନଯାପନ କରିବା ପାଇଁ ସଂକଳ୍ପ କରି, ସତ୍ୟବାନଙ୍କୁ ପତି ରୂପେ ମନୋନୀତ କରି ରାଜଧାନୀକୁ ଫେରି ପିତାଙ୍କୁ ଜଣାଇଲେ। ଏହି ସମୟରେ ନାରଦ ଉପସ୍ଥିତ ହୋଇ ସତ୍ୟବାନଙ୍କ ପରମାୟୁ ଆଉ ମାତ୍ର ଏକ ବର୍ଷ ଥିବା ଜଣାଇ ନିଜ ମତ ବଦଳାଇବାକୁ ସାବିତ୍ରୀଙ୍କୁ ଅନୁରୋଧ କଲେ। ମାତ୍ର ସାବିତ୍ରୀ ଏ’ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରି ନିଜ ନିଷ୍ପତ୍ତିରେ ଅଟଳ ରହିଲେ। ଅଗତ୍ୟା ଉଭୟ ପକ୍ଷଙ୍କ ପିତାମାତାଙ୍କ ଅନୁମତି କ୍ରମେ ସାବିତ୍ରୀଙ୍କର ସତ୍ୟବାନଙ୍କ ସହିତ ଯଥାରୀତି ବିବାହ ସମ୍ପନ୍ନ ହେଲା। ବିବାହ ପରେ ସାବିତ୍ରୀ ପିତୃଗୃହର ରାଜ ସମ୍ପଦ, ବିଳାସ ଓ ଦାସଦାସୀ ବର୍ଗଙ୍କୁ ତ୍ୟାଗ କରି ସ୍ୱାମୀଙ୍କ ସହିତ ତପୋବନର କୁଟୀରରେ ରହି ଶାଶୁ ଓ ଶ୍ୱଶୁରଙ୍କ ସେବାରେ ଲାଗିଲେ।

ବିବାହର ଏକ ବର୍ଷ ପୂରିବାକୁ ତିନି ଦିନ ପୂର୍ବରୁ ସାବିତ୍ରୀ ତ୍ରିରାତ୍ର- ବ୍ରତ ଅବଲମ୍ବନ କଲେ। ଅନନ୍ତର ଯେଉଁଦିନ ଏକ ବର୍ଷ ପୂର୍ଣ୍ଣ ହେବ ଓ ସତ୍ୟବାନଙ୍କର ପରମାୟୁ ଶେଷ ହେବ, ସେଦିନ ସତ୍ୟବାନ ଫଳମୂଳ ଓ ସମିଧ ସଂଗ୍ରହ କରିବାକୁ ବଣକୁ ଯିବାବେଳେ ସାବିତ୍ରୀ ତାଙ୍କ ସଙ୍ଗରେ ଗଲେ। ବଣରେ ସତ୍ୟବାନ ଅଶ୍ୱସ୍ତି ବୋଧ କରିବାରୁ ସାବିତ୍ରୀଙ୍କ କୋଳରେ ମୁଣ୍ଡ ରଖି ନିଦ୍ରା ଗଲେ। ତାହା ହିଁ ତାଙ୍କର ମହାନିଦ୍ରା (ମୃତ୍ୟୁ) ହେଲା। କିନ୍ତୁ ସାବିତ୍ରୀ ନିଜ ମୃତ ସ୍ୱାମୀଙ୍କ ମସ୍ତକକୁ ନିଜ କୋଳରେ ରଖି ସେହିଠାରେ ବସି ରହିଲେ। ଯମଦୂତ ମାନେ ସତ୍ୟବାନଙ୍କ ଜୀବନ ନେବା ପାଇଁ ଆସି ସାଧ୍ୱୀ ସାବିତ୍ରୀଙ୍କ ନିକଟରୁ ଛଡ଼ାଇ  ନପାରି ଫେରିଗଲେ। ବିଫଳ ଯମଦୂତଙ୍କ ଠାରୁ ଖବର ପାଇ ନିଜେ ଯମ ଆସି ସେଠାରେ ପହଞ୍ଚି ସତ୍ୟବାନଙ୍କ ଜୀବନ ଧରି ବାହାରିଲେ। ସାବିତ୍ରୀ ମଧ୍ୟ ଯମଙ୍କୁ ଅନୁଗମନ କଲେ। ଯମରାଜା ସାବିତ୍ରୀଙ୍କ ପତିଭକ୍ତି ଓ ସ୍ତୁତି ପାଠରେ ସନ୍ତୁଷ୍ଟ ହୋଇ ସତ୍ୟବାନଙ୍କ ବଦଳରେ ତିନୋଟି ବର ଦେବାକୁ ସତ୍ୟକଲେ। ସର୍ତ୍ତ ରଖିଲେ ଯେ, ସତ୍ୟବାନଙ୍କ ଜୀବନ ବଦଳରେ ଆଉ ଯାହା କିଛି ମାଗି ପାରନ୍ତି। ଏହି କ୍ରମରେ ପ୍ରଥମ ବରରେ ଶ୍ୱଶୁରଙ୍କ ନଷ୍ଟ ଚକ୍ଷୁ ଓ ହୃତ ରାଜ୍ୟ ପୁନଃ ପ୍ରାପ୍ତ, ଦ୍ୱିତୀୟ ବରରେ ନିଜ ପିତାଙ୍କ ପାଇଁ ଏକ ପୁତ୍ର ସନ୍ତାନ ଏବଂ ତୃତୀୟ ବରରେ ନିଜ ଗର୍ଭରୁ ଶତପୁତ୍ର କାମନା କଲେ। ଯମ ତଥାସ୍ତୁ କହି, ଫେରିଯିବାକୁ କହିବାରୁ, ସାବିତ୍ରୀ ସ୍ୱାମୀଙ୍କ ବିନା କିପରି ଶତପୁତ୍ର ପାଇବେ ବୋଲି ପଚାରିଲେ। ଅଗତ୍ୟା ନିରୁପାୟ ହୋଇ ସତ୍ୟବାନଙ୍କୁ ପୁନଃ ଜୀବିତ କରାଇ ଆୟୁଦାନ କରିଥିଲେ।

Savitri Brata
Advertisment
Advertisment