Advertisment

ସଧବା ନାରୀଙ୍କ ପବିତ୍ର ଓଷା ସାବିତ୍ରୀ ବ୍ରତ

ଓଡିଆ ସଧବା ନାରୀଙ୍କ ପବିତ୍ର ବ୍ରତ ସାବିତ୍ରୀ ଓଷା। ମା ଗାୟତ୍ରୀଙ୍କ ଏକ ଉପାସନ। ଏହି ଦିନ ପତିବ୍ରତା ନାରୀ ସ୍ୱାମୀଙ୍କ ଦୀର୍ଘ ଜୀବନ କାମନା କରି ବ୍ରତ ପାଳନ କରିଥାନ୍ତି। ତେବେ ଆସନ୍ତୁ ଜାଣିବା ଏହା ପଛରେ ଥିବା କିମ୍ବଦନ୍ତୀ ବିଷୟରେ।

author-image
Pramod Behera
ଅଦ୍ୟତନ ହୋଇଛି
Story of Sati Sabitri

Story of Sati Sabitri

ସାବିତ୍ରୀ ବ୍ରତ ଓଡ଼ିଶାରେ ସଧବା ନାରୀମାନଙ୍କ ଦ୍ୱାରା ପାଳିତ ହେଉଥିବା ଏକ ପବିତ୍ର ଓଷା। ସାବିତ୍ରୀ ସାଧ୍ୱୀ ନାରୀଙ୍କର ଆଦର୍ଶ। ତେଣୁ ନିଜ ପତିଙ୍କର ଦୀର୍ଘ ଆୟୁଷ ନେଇ ମଙ୍ଗଳ କାମନା କରି, ସଧବା ସ୍ତ୍ରୀମାନେ ସାବିତ୍ରୀଙ୍କ ପରି ଆଜୀବନ ସଧବା ରହିବା ପାଇଁ ଏହି ଓଷା ପାଳନ କରିଥାନ୍ତି।

Advertisment

ଜ୍ୟୈଷ୍ଠ ଅମାବାସ୍ୟା ଦିନ ସାବିତ୍ରୀ ଓଷା ପାଳନ କରାଯାଇଥାଏ। ଏହି ଦିନ ସଧବା ନାରୀମାନେ ଉପବାସ କରନ୍ତି, ଅନ୍ନ ଗ୍ରହଣ କରନ୍ତି ନାହିଁ ଓ ଅପରାହ୍ଣରେ ପୂଜା ଶେଷ ହେଲେ ଧୂଆମୁଗ, ନଡ଼ିଆ, କଦଳୀ, ଆମ୍ବ, ପଣସ, ସପୁରୀ, ତାଳସଜ ଆଦି ଫଳାମୂଳ ଖାଇଥାନ୍ତି।

ଏହି ଅବସରରେ ଚଉଁରା ମୂଳେ ବା ଠାକୁର ଘରେ ବ୍ରତୋତ୍ସବ ପାଳନ ବେଳେ ସାବିତ୍ରୀ ଉପାଖ୍ୟାନ ପାଠ କରାଯାଏ। ବାସ୍ତବରେ ଏ ପୂଜାର ଆରାଧ୍ୟା ଦେବୀ ହେଉଛନ୍ତି ମା' ସାବିତ୍ରୀ। ସାବିତ୍ରୀ ହେଉଛନ୍ତି ବ୍ରହ୍ମାଙ୍କ ପତ୍ନୀ, ଗାୟତ୍ରୀ, ସୂର୍ଯ୍ୟାଧିଷ୍ଠାତ୍ରୀ ଦେବୀ। ଦେବୀ ସାବିତ୍ରୀଙ୍କ ମାନବୀ ସାବିତ୍ରୀଙ୍କ ପ୍ରତି ଆଶୀର୍ବାଦ ଓ କରୁଣା କିପରି ସତ୍ୟବାନଙ୍କୁ ଯମ କବଳରୁ ଫେରାଇ ଆଣିଲା, ତାହାକୁ ଆଧାର କରି ମା' ସାବିତ୍ରୀଙ୍କ ଗୁଣଗାନ କରାଯାଏ।

Advertisment

ପୌରାଣିକ କାହାଣୀ:

ମହାଭାରତ ଅନୁସାରେ ମଦ୍ର ଦେଶରେ ଅଶ୍ୱପତି ନାମରେ ଜଣେ ରାଜା ଥିଲେ। ସେ ମା’ ସାବିତ୍ରୀ ବା ଗାୟତ୍ରୀ ଦେବୀଙ୍କୁ କନ୍ୟା ରୂପେ ପାଇବା ପାଇଁ ଯଜ୍ଞ କରିଥିଲେ। ଦେବୀ ଅଶ୍ୱପତିଙ୍କୁ ଦର୍ଶନ ଦେଇ ଇଛା ଅନୁସାରେ ବର ମାଗିବାକୁ କହିଲେ। ରାଜା ନିଃସନ୍ତାନ ଥିବାରୁ ପୁତ୍ରସନ୍ତାନ ପାଇଁ ଦେବୀଙ୍କ ପାଖରେ ମିନତୀ କଲେ। ଦେବୀ ରାଜାଙ୍କୁ ପୁତ୍ରସନ୍ତାନ ଲାଭ କରିବା ଯୋଗ ନ'ଥିବା କହି ଏକ ଉତ୍ତମ କନ୍ୟା ହେବାର ଆଶୀର୍ବାଦ ଦେଇ ଅନ୍ତର୍ଦ୍ଧାନ ହୋଇଗଲେ।

ଦେବୀଙ୍କ କୃପାରୁ ଅଶ୍ୱପତିଙ୍କ ପତ୍ନୀଙ୍କ କୋଳରେ କନ୍ୟାଟିଏ ଜନ୍ମ ହେଲା। ସାବିତ୍ରୀଙ୍କୁ ଉପାସନା କରି ତାଙ୍କ ଆଶୀର୍ବାଦରୁ କନ୍ୟା ସନ୍ତାନଟିଏ ଲାଭ କରିଥିବାରୁ ଅଶ୍ୱପତି ତାଙ୍କର ନାମ ସାବିତ୍ରୀ ରଖିଥିଲେ। ସାବିତ୍ରୀ ଯୌବନରେ ପାଦ ଦେବା ପରେ ପିତାଙ୍କ ଆଦେଶରେ ନିଜ ଇଚ୍ଛାରେ ବର ଖୋଜିବାକୁ ସମ୍ମତି ପ୍ରକାଶ କରି ସହଚରୀମାନଙ୍କ ସହ ପତି ଖୋଜିବା ନେଇ ଭ୍ରମଣ କରିବାକୁ ବାହାରିଲେ।

ଏହି ସମୟରେ ଶାଲ୍ୱଦେଶର ରାଜା ଦ୍ୟୁମତସେନ ଓ ଶୈବ୍ୟାଙ୍କ ଠାରୁ ସତ୍ୟବାନ ଜନ୍ମଗ୍ରହଣ କରିଥିଲେ। ସତ୍ୟବାନଙ୍କ ଶୈଶବାସ୍ଥାରେ ଦ୍ୟୁମତସେନ ଅନ୍ଧ ଓ ଭ୍ରଷ୍ଟରାଜ୍ୟ ହୋଇ ବନବାସୀ ହୋଇଥିଲେ। ସତ୍ୟବାନ ବଣରେ ଫଳମୂଳ ଖାଇ ମୁନିବୃତ୍ତି ଅବଲମ୍ବନ କରି ଭକ୍ତି ସହକାରେ ପିତାମାତାଙ୍କର ସେବା କରୁଥିଲେ।

ସାବିତ୍ରୀ ଭ୍ରମଣ କରୁ କରୁ ସେହି ବଣରେ ପହଞ୍ଚି ସତ୍ୟବାନଙ୍କ ଅସୀମ ପିତୃଭକ୍ତି, ଧର୍ମପରାୟଣାତା ଓ ରୂପରେ ମୁଗ୍ଧ ହୋଇଗଲେ। ଐଶ୍ୱର୍ଯ୍ୟ ଭୋଗ ଲାଳସା ତ୍ୟାଗ କରି ସତ୍ୟବାନଙ୍କ ସହ ଜୀବନଯାପନ କରିବା ପାଇଁ ସଂକଳ୍ପ କରି ସତ୍ୟବାନଙ୍କୁ ପତିରୂପେ ମନୋନୀତ କରି ରାଜଧାନୀକୁ ଫେରିଲେ ଓ ପିତାଙ୍କୁ ଜଣାଇଲେ।

ଏହି ସମୟରେ ନାରଦ ଉପସ୍ଥିତ ହୋଇ ସତ୍ୟବାନଙ୍କ ପରମାୟୁ ଆଉ ମାତ୍ର ଏକ ବର୍ଷ ଥିବା ଜଣାଇ, ନିଜ ମତ ବଦଳାଇବାକୁ ସାବିତ୍ରୀଙ୍କୁ ଅନୁରୋଧ କଲେ। ମାତ୍ର ସାବିତ୍ରୀ ଏ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରି ନିଜ ନିଷ୍ପତ୍ତିରେ ଅଟଳ ରହିଲେ। ଅଗତ୍ୟା ଉଭୟ ପକ୍ଷଙ୍କ ପିତାମାତାଙ୍କ ଅନୁମତି କ୍ରମେ ସାବିତ୍ରୀଙ୍କର ସତ୍ୟବାନଙ୍କ ସହିତ ଯଥାରୀତି ବିବାହ ସମ୍ପନ୍ନ ହେଲା। ବିବାହ ପରେ ସାବିତ୍ରୀ ପିତୃଗୃହର ସମସ୍ତ ସୁଖ ତ୍ୟାଗ କରି ସ୍ୱାମୀଙ୍କ ସହିତ ତପୋବନର କୁଟୀରରେ ରହି ଶାଶୁ ଓ ଶ୍ୱଶୁରଙ୍କ ସେବାରେ କଲେ।

ବିବାହର ଏକ ବର୍ଷ ପୂରିବାକୁ ତିନି ଦିନ ପୂର୍ବରୁ ସାବିତ୍ରୀ ତ୍ରିରାତ୍ର-ବ୍ରତ କଲେ। ଯେଉଁଦିନ ଏକ ବର୍ଷ ପୂର୍ଣ୍ଣ ହେବ ଓ ସତ୍ୟବାନଙ୍କର ପରମାୟୁ ଶେଷ ହେବ, ସେଦିନ ସତ୍ୟବାନ ଫଳମୂଳ ଓ ସମିଧ ସଂଗ୍ରହ କରିବାକୁ ବଣକୁ ଯିବାବେଳେ ସାବିତ୍ରୀ ତାଙ୍କ ସହ ଗଲେ।

ବଣରେ ସତ୍ୟବାନ ଅଶ୍ୱସ୍ତି ବୋଧ କରିବାରୁ ସାବିତ୍ରୀଙ୍କ କୋଳରେ ମୁଣ୍ଡ ରଖି ନିଦ୍ରାଗଲେ ଓ ତାହା ହିଁ ତାଙ୍କର ଶେଷ ନିଦ୍ରା ହେଲା। କିନ୍ତୁ ସାବିତ୍ରୀ ନିଜ ମୃତ ସ୍ୱାମୀଙ୍କ ମସ୍ତକକୁ ନିଜ କୋଳରେ ରଖି ସେହିଠାରେ ବସି ରହିଲେ।

ଯମଦୂତମାନେ ସତ୍ୟବାନଙ୍କ ଜୀବ ନେବା ପାଇଁ ଆସି ସାବିତ୍ରୀଙ୍କ ପାଖରୁ ତାଙ୍କୁ ନେଇ ନ ପାରି ଫେରିଗଲେ। ବିଫଳ ଯମଦୂତଙ୍କଠାରୁ ଖବର ପାଇ ନିଜେ ଯମ ଆସି ସେଠାରେ ପହଞ୍ଚି ସତ୍ୟବାନଙ୍କ ଜୀବ ଧରି ବାହାରିଲେ। ସାବିତ୍ରୀ ମଧ୍ୟ ଯମଙ୍କୁ ଅନୁଗମନ କଲେ। ଯମରାଜା ଏହାଙ୍କ ପତିଭକ୍ତି ଓ ସ୍ତୁତିପାଠରେ ତୁଷ୍ଟ ହୋଇ ସତ୍ୟବାନଙ୍କ ବଦଳରେ ତିନୋଟି ବର ଦେବାକୁ ସତ୍ୟକଲେ। କିନ୍ତୁ ସର୍ତ୍ତ ରଖିଲେ ଯେ ସତ୍ୟବାନଙ୍କ ଜୀବନ ବଦଳରେ ଆଉ ଯାହା ମାଗିବେ ସେ ଦେବେ।

ପ୍ରଥମ ବରରେ ସାବିତ୍ରୀ ମାଗିଲେ ଶ୍ୱଶୁରଙ୍କ ନଷ୍ଟ ଚକ୍ଷୁ ଓ ରାଜ୍ୟ ପୁନଃ ପ୍ରାପ୍ତ, ଦ୍ୱିତୀୟ ବରରେ ନିଜ ପିତାଙ୍କ ପାଇଁ ଏକ ପୁତ୍ର ସନ୍ତାନ ଓ ତୃତୀୟ ବରରେ ନିଜ ଗର୍ଭରୁ ଶତପୁତ୍ର। ଯମ ତଥାସ୍ତୁ କହି, ଫେରିଯିବାକୁ କହିବାରୁ, ସାବିତ୍ରୀ ତାଙ୍କୁ ଅଟକାଇଲେ। ସେ ଯମଙ୍କୁ ପଚାରିଲେ ଯେ ଜଣେ ମହାସତୀ ହୋଇ ସ୍ୱାମୀଙ୍କ ବିନା କିପରି ଶତପୁତ୍ର ପାଇବେ? ଫଳରେ ଯମ ନିରୁପାୟ ହୋଇ ସତ୍ୟବାନଙ୍କୁ ପୁନଃ ଜୀବିତ କରାଇ ଆୟୁ ଦାନକଲେ।

Sati Sabitri
Advertisment
Advertisment