Astrospeak
  • Live TV
  • Read In English

Snana Purnima: ଦେବସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁ କାହିଁକି ହୁଅନ୍ତି ଗଜାନନ ବେଶ

ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ। ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ। ଏହିଦିନ ମହାପ୍ରଭୁ କାହିଁକି ହୁଅନ୍ତି ଗଜାନନ ବେଶ ଜାଣିବା ପାଇଁ ପଢନ୍ତୁ।

Why Lord Jagannath become gajanan besha in Debasnan Purnima
ଦେବସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁ କାହିଁକି ହୁଅନ୍ତି ଗଜାନନ ବେଶ

ମହାପ୍ରଭୁଙ୍କ ସ୍ନାନଯାତ୍ରା ବା ଦେବସ୍ନାନ ପୂର୍ଣ୍ଣିମା ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ପାଳନ କରାଯାଏ। ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ। ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ।

ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ। ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ଭାବେ ମଧ୍ୟ ପାଳନ କରାଯାଇଥାଏ। ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ମହାପ୍ରଭୁଙ୍କର ଏକ ପୂଜା ବିଧି।

ଇତିହାସ:

ପୁରୁଷୋତ୍ତମ କ୍ଷେତ୍ରରେ ମହାପ୍ରଭୁଙ୍କ ସ୍ନାନ ଉତ୍ସବ ଏକ ଶାସ୍ତ୍ରୀୟ ଭିତ୍ତିଭୂମିର ଲୀଳା। ମହାପ୍ରଭୁଙ୍କ ଆବିର୍ଭାବ ବେଳେ ପ୍ରଥମେ ଏହି ସ୍ନାନ ହୋଇଥିବାରୁ ଏହାକୁ ଶ୍ରୀଦାରୁବ୍ରହ୍ମଙ୍କ ଆଦ୍ୟଲୀଳା ବୋଲି ମଧ୍ୟ କୁହାଯାଏ। ମହାପ୍ରଭୁ ଯେତେବେଳେ ଦାରୁବ୍ରହ୍ମ ରୂପ ଧାରଣ କଲେ, ଏହା ପରେ ମହାରାଜା ଇନ୍ଦ୍ରଦ୍ୟୁମ ପ୍ରଥମ ମଙ୍ଗଳମୟ ମୁହୂର୍ତ୍ତରେ ଏହି ସ୍ନାନଲୀଳା କରାଇଥିଲେ।

ସେତେବେଳେ ସ୍ନାନମଣ୍ଡପ ନଥିଲା। ଏନେଇ ଏକ କାଠର ମଞ୍ଚ ନିର୍ମାଣ କରାଯାଇ ତାହା ଉପରେ ସ୍ନାନବିଧି ସମାପନ ହୋଇଥିଲା। ସେଥିପାଇଁ ଅନେକ ଶାସ୍ତ୍ରରେ ଏହା ମଞ୍ଚସ୍ନାନ ବୋଲି ଉଲ୍ଲେଖ ହୋଇଛି।

ଶାସ୍ତ୍ରମତରେ ୧୦୮ ସୁନା କଳସରେ ଅଭିମନ୍ତ୍ରିତ ପବିତ୍ର ଜଳରେ ଦାରୁବ୍ରହ୍ମଙ୍କ ଆଦ୍ୟ ସ୍ନାନଲୀଳା ସମାପନ ହୋଇଥିଲା। ସେହି ଶାସ୍ତ୍ରୀୟ ମତକୁ ଅନୁସରଣ କରି ଆଜି ମଧ୍ୟ ସେହିପରି ସ୍ନାନଯାତ୍ରା ଅନୁଷ୍ଠିତ ହେଉଛି।

ଶାସ୍ତ୍ର ମତରେ ଜ୍ୟେଷ୍ଠ ପୂର୍ଣ୍ଣିମା ଦିବସରେ ମହାପ୍ରଭୁଙ୍କ ଆବିର୍ଭାବ ହୋଇଥିଲା। ଜ୍ୟେଷ୍ଠ ମାସ ପୂର୍ଣ୍ଣମୀରେ ମହାପ୍ରଭୁଙ୍କ ପ୍ରଥମ ସ୍ନାନଲୀଳା ଜାତି, ବର୍ଣ୍ଣ, ନିର୍ବଶେଷରେ ସମସ୍ତେ ଦର୍ଶନ କରିଥିଲେ। ଏନେଇ ମହାପ୍ରଭୁଙ୍କ ଏହି ଲୀଳାକୁ ପତିତପାବନ ଲୀଳା କୁହାଯାଏ।

ମହାପ୍ରଭୁଙ୍କ ଗଜବେଶ:

ଦେବସ୍ନାନ ପୂର୍ଣ୍ଣିମା ଦିନ ଚତୁର୍ଦ୍ଧା ମୂର୍ତ୍ତି ସ୍ନାନ ପରେ ଗଜବେଶରେ ସଜ୍ଜିତ ହୁଅନ୍ତି। ଏହା ପଛରେ ଏକ କିମ୍ବଦନ୍ତୀ ମଧ୍ୟ ରହିଛି। ଗଣପତି ଭଟ୍ଟ ନାମରେ ମହାରାଷ୍ଟ୍ରର ଏକ ବ୍ରାହ୍ମଣ ଥରେ ମହାପ୍ରଭୁଙ୍କ ମହିମା ବିଷୟରେ ଶୁଣି, ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଆସିଲେ। ସେ ଭଗବାନ ଗଣେଶଙ୍କର ଭକ୍ତ ଥିଲେ। ତେଣୁ ଦାରୁ ବିଗ୍ରହଙ୍କ ଦର୍ଶନ କରି, ଗଜ ରୂପ ନଦେଖି ସେ ତାଙ୍କୁ ପରମବ୍ରହ୍ମ ବୋଲି ମାନିବାକୁ ଅସ୍ୱୀକାର କଲେ ଏବଂ ରାଗରେ ମନ୍ଦିର ତ୍ୟାଗ କଲେ। ପରଦିନ ଦେବସ୍ନାନ ପୂର୍ଣ୍ଣିମା ଥିଲା। ମହାପ୍ରଭୁଙ୍କ ଆଦେଶରେ ବଡ଼ପଣ୍ଡା ଗଣପତି ଭଟ୍ଟଙ୍କୁ ସ୍ନାନ ଯାତ୍ରା ଦେଖିବା ପାଇଁ ଆମନ୍ତ୍ରଣ କଲେ। ତାଙ୍କ ଆଖି ସାମ୍ନାରେ ଶ୍ରୀ ଜଗନ୍ନାଥଙ୍କ ରୂପ ପରିବର୍ତ୍ତନ ହୋଇଗଲା। ମହାପ୍ରଭୁ ଗଣପତି ରୂପ ଧାରଣ କଲେ।

ମହାପ୍ରଭୁଙ୍କ ଏହି ଅଲୌକିକ ଲୀଳା ଦେଖି ତାଙ୍କର ଜ୍ଞାନୋଦୟ ହେଲା ଏବଂ ସେ ନିଜର ଭୁଲ୍‌ ବୁଝିପାରିଲେ। ତାଙ୍କ ପ୍ରାର୍ଥନାରେ ସନ୍ତୁଷ୍ଟ ହୋଇ ମହାପ୍ରଭୁ ତାଙ୍କୁ ବର ପ୍ରଦାନ କଲେ ଯେ, ପ୍ରତିବର୍ଷ ଏହି ଦିନରେ ସେ ଗଜବେଶ ଧାରଣ କରିବେ।