• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ରାଜଧାନୀ ମହୋତ୍ସବ ପାଇଁ ପ୍ରସ୍ତୁତି । ଏପ୍ରିଲ ୧୩ରୁ ୧୫ ପର୍ଯ୍ୟନ୍ତ ପାଳିତ ହେବ ରାଜଧାନୀ ମହୋତ୍ସବ ତଥା ରାଜଧାନୀ ପ୍ରତିଷ୍ଠା ଦିବସ । ଭୁବନେଶ୍ୱରକୁ ଆଲୋକୀକରଣ ସହ ବହୁ ପ୍ରତିଷ୍ଠିତ ବ୍ୟକ୍ତି ବିଶେଷଙ୍କୁ ରାଜଧାନୀ ଗୌରବ ସମ୍ମାନରେ ସମ୍ମାନିତ କରାଯିବ । ଏଥିପାଇଁ ଭୁବନେଶ୍ୱର କ୍ୟାପିଟାଲ ହାଇସ୍କୁଲ ପରିସରରେ ଏକ ପ୍ରସ୍ତୁତି ବୈଠକ ଆୟୋଜିତ ହୋଇଛି । ଚଳିତବର୍ଷ ମୁଖ୍ୟ ଆକର୍ଷଣ ପାଲଟିବ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରସ୍ତୁତ ପରେଡ୍ । ଗତ ୩୩ବର୍ଷ ଧରି ଏହି କାର୍ଯ୍ୟକ୍ରମ ପାଳିତ ହେଉଥିବା ବେଳେ କୋଭିଡ୍ ସ୍ଥିତି ପାଇଁ ଦୁଇବର୍ଷ ସ୍ଥଗିତ ରହିଥିଲା ।

୧୯୪୮ରୁ ପ୍ରତିବର୍ଷ ଅପ୍ରେଲ ୧୩ ତାରିଖ ଦିନ, ‘ଭୁବନେଶ୍ୱର ପ୍ରତିଷ୍ଠା ଦିବସ ବା ରାଜଧାନୀ ପ୍ରତିଷ୍ଠା ଦିବସ’ ଭାବରେ ପାଳନ କରାଯାଏ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ଦୁଇହଜାର ବର୍ଷ ପୁରୁଣା । ୧୯୪୬ ମସିହାରେ, ଭୁବନେଶ୍ୱରକୁ ଏକ ମନହୋର ନଗରୀରେ ଗଢ଼ି ତୋଳିବାର ନକ୍ସା ପ୍ରସ୍ତୁତ କରିଥିଲେ ଜର୍ମାନୀର ସ୍ଥପତି ଓ ପ୍ଲାନର "ଅଟୋକଏନ୍ସ ବର୍ଗର" । ୧୯୪୮ ମସିହା ଅପ୍ରେଲ ୧୩ ତାରିଖ ଦିନ ଭୁବନେଶ୍ୱରରେ ନୂଆ ରାଜଧାନୀର ପ୍ରତିଷ୍ଠା ଫଳକ ତତ୍କାଳିନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ କରକମଳରେ ସ୍ଥାପିତ ହୋଇଥିଲା । ସେହି ପ୍ରତିଷ୍ଠା ଫଳକଟି ବର୍ତ୍ତମାନ ବିଧାନ ସଭା ସନ୍ନିକଟ ପାଚେରୀ ନିକଟରେ ଲାଗିଛି ।

ସେତେବେଳେ ପ୍ରସ୍ତୁତ କରାଯାଇଥିବା ନକ୍ସା ଅନୁଯାୟୀ, ପ୍ରଥମ ଦଶ ବର୍ଷ ମଧ୍ୟରେ ଭୁବନେଶ୍ୱର ଜନସଂଖ୍ୟା ପନ୍ଦର ହଜାରରୁ ବଢ଼ି ଚାଳିଶ ହଜାର ଓ ସହରର କ୍ଷେତ୍ରଫଳ ୧୩୨ ବର୍ଗ କିଲୋମିଟର ହେବ ବୋଲି ଆକଳନ କରାଯାଇଥିଲା । ଭୁବନେଶ୍ୱରରେ ଛଅଟି ୟୁନିଟ ଓ ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ଏକ ବିଜ୍ଞାପିତ ଅଞ୍ଚଳ ହେବା ମଧ୍ୟ ସେହି ନକ୍ସାରେ ଥିଲା ।

ଏହି ଯୋଜନାକୁ "ଓଡ଼ିଶା ସହର ଯୋଜନା ଆଇନ" ୧୯୫୬ ଅନୁସାରେ କାର୍ଯ୍ୟକାରି କରାଗଲା । ଭୁବନେଶ୍ୱର ପାଇଁ ଜଣେ "ବିଶେଷ ଯୋଜନା ଅଧିକାରୀ"ଙ୍କୁ ନିଯୁକ୍ତ କରାଗଲା । ଜନସଂଖ୍ୟା ବୃଦ୍ଧି ସହ ପରବର୍ତ୍ତୀ ସମୟରେ, ଭୁବନେଶ୍ୱରରେ ମୁନିସିପାଲିଟି ଗଠନ କରାଗଲା । ପରେ ଭୁବନେଶ୍ୱର ମୁନିସିପାଲିଟି ସହ ଖୋର୍ଦ୍ଧା, ଜଟଣୀ ବିଜ୍ଞାପିତ ଅଞ୍ଚଳକୁ ନେଇ "ଭୁବନେଶ୍ୱର ଆଞ୍ଚଳିକ ଉନ୍ନୟନ ସଂସ୍ଥା(ବ୍ରିଟ)" ଗଠନ କରାଗଲା । ପରବର୍ତ୍ତୀ ସମୟରେ, ଭୁବନେଶ୍ୱରରେ ମୁନିସିପାଲ କର୍ପୋରେସନ ଓ ସନ୍ନିକଟ ଗାଁଗୁଡିକୁ ନେଇ ଭୁବନେଶ୍ୱର ଉନ୍ନୟନ ସଂସ୍ଥା (ବିଡିଏ) ଗଠନ କରାଗଲା ।

ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି । ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ, ଆଦି ଦେଶ ବିଦେଶରେ ପରିଚିତ । ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଛି । ପୂର୍ବ ଭାରତରେ ପୁରୀ କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଯାହା ପର୍ଯ୍ୟଟକମାନଙ୍କ ଦ୍ୱାରା ବିଶେଷ ଆଦୃତ । 

ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା । ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ । ଦେଶ ସ୍ୱାଧୀନ ହେବାର ପରବର୍ଷ, ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ କଟକରୁ ଭୁବନେଶ୍ୱରକୁ ସ୍ଥାନାନ୍ତରିତ ହୋଇଥିଲା ।