ମହାରାଷ୍ଟ୍ରରେ ତୃତୀୟ ଥର ପାଇଁ ଆଜି ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଦେବେନ୍ଦ୍ର ଫଡନାଭିସ୍ । ମୁମ୍ବାଇ ଆଜାଦ ମୈଦାନରେ ସନ୍ଧ୍ୟାରେ ହେବ ଶପଥ ଗ୍ରହଣ ସମାରୋହ । ତାଙ୍କ ସହ ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି ସୂଚନା ଦେଇଛନ୍ତି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ବିଜୟ ରୂପାନୀ ।
Also Read
ଚର୍ଚ୍ଚା ହେଉଛି, ଶିବସେନା ନେତା ଏକନାଥ ସିନ୍ଧେ ଉପମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେଇପାରନ୍ତି । ଏହି ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଉପସ୍ଥିତ ରହିବେ । ବିଜେପି ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି ଫଡନାଭିସ୍ । ମୁମ୍ବାଇରେ ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିର୍ମଳା ସୀତାରମଣ ଓ ବିଜୟ ରୂପାନୀଙ୍କ ଉପସ୍ଥିତିରେ ମହାରାଷ୍ଟ୍ର ବିଜେପି ବିଧାୟକ ଦଳ ବୈଠକ ବସିଥିଲା । ସେଠାରେ ସର୍ବସମ୍ମତରେ ଫଡନାଭିସ୍ ନେତା ନିର୍ବାଚିତ ହୋଇଛନ୍ତି । ଏଥିସହ ୧୨ ଦିନ ଧରି ଚାଲିଥିବା CM ସସ୍ପେନ୍ସ ଉପରୁ ପରଦା ହଟିଛି ।
ଆଉ ଏପଟେ ଗତକାଲି ଅପରାହ୍ନରେ ମହାରାଷ୍ଟ୍ର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନଙ୍କୁ ଭେଟିଲେ ମହାୟୁତି ମେଣ୍ଟ ନେତା । ଦେବେନ୍ଦ୍ର ଫଡନାଭିସ୍, ଏକନାଥ ସିନ୍ଦେ, ଅଜିତ ପାୱାର ପ୍ରମୁଖ ରାଜ୍ୟପାଳଙ୍କୁ ମିଳିତ ଭାବେ ଭେଟି ସରକାର ଗଠନ ଦାବି ଉପସ୍ଥାପନ କରିଛନ୍ତି । ଦେବେନ୍ଦ୍ର ଫଡନାଭିସ୍ଙ୍କ ଶପଥ ଉତ୍ସବରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଯୋଗଦେବେ ବୋଲି ସୂଚନା ମିଳିଛି ।
ମହାୟୁତି ମେଣ୍ଟର ବିଜୟ ପରେ ଗତ ନଭେମ୍ବର ୨୬ରେ ମୁଖ୍ୟମନ୍ତ୍ରୀ ପଦରୁ ଏକନାଥ ସିନ୍ଦେ ଇସ୍ତଫା ଦେଇଥିଲେ । ଏକନାଥ ସିନ୍ଦେ ରାଜ ଭବନ ଯାଇ ରାଜ୍ୟପାଳ ସିପି ରାଧାକୃଷ୍ଣନଙ୍କ ନିକଟରେ ଇସ୍ତଫା ଦାଖଲ କରିଥିଲେ । ମହାୟୁତିର ବିପୁଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିଥିଲେ ଏକନାଥ । ଇସ୍ତଫା ଦେବା ସମୟରେ ସିନ୍ଦେଙ୍କ ସହ ଡେପୁଟି ସିଏମ୍ ଅଜିତ ପାୱାର ଏବଂ ଦେବେନ୍ଦ୍ର ଫଡନାଭିସ୍ ମଧ୍ୟ ଉପସ୍ଥିତ ଥିଲେ । ଏକନାଥ ସିନ୍ଦେଙ୍କ ସହ ତାଙ୍କ ପୂରା ମନ୍ତ୍ରିମଣ୍ଡଳ ମଧ୍ୟ ଇସ୍ତଫା ଦେଇଥିଲେ ।
ଅଧିକ ପଢ଼ନ୍ତୁ: ସିଏମ ସସପେନ୍ସରେ ପୂର୍ଣ୍ଣଚ୍ଛେଦ; ଫଡନାଭିସ୍ ହେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ, କାଲି ନେବେ ଶପଥ
ମହାରାଷ୍ଟ୍ରରେ ଅନୁଷ୍ଠିତ ହୋଇଥିବା ବିଧାନସଭା ନିର୍ବାଚନରେ ମହାୟୁତି ମେଣ୍ଟର ମହାବିଜୟ ହୋଇଥିଲା । ମୋଟ ୨୮୮ ଆସନରୁ ମହାୟୁତି ମେଣ୍ଟକୁ ୨୩୦ ସିଟ୍ ମିଳିଥିବା ବେଳେ ବିଜେପି ଏକାକୀ ଜିତିଛି ୧୩୨ ସିଟ୍ । ମହାରାଷ୍ଟ୍ରରେ ଲଗାତାର ତୃତୀୟ ଥର ପାଇଁ ସର୍ବବୃହତ ଦଳ ଭାବେ ଉଭା ହୋଇଛି ବିଜେପି । ସେପଟେ ମାତ୍ର ୫୧ ଆସନ ସହ ମହାବିପର୍ଯ୍ୟୟର ସାମ୍ନା କରିଛି ମହାବିକାଶ ଅଘାଡ଼ି ।
ଭୋଟ୍ ସେୟାରରେ ଷଷ୍ଠ ସ୍ଥାନକୁ ଖସିଯାଇଛି ଉଦ୍ଧବ ସେନା । ଗୋଆ, ଗୁଜରାଟ, ହରିୟାଣା, ଛତିଶଗଡ଼ ଓ ମଧ୍ୟପ୍ରଦେଶ ପରେ ଷଷ୍ଠ ରାଜ୍ୟଭାବେ ତୃତୀୟ ଥର କ୍ଷମତାକୁ ଆସିଛି ବିଜେପି । ମହାରାଷ୍ଟ୍ରରେ ନିଜର ୨୦୧୪ ଓ ୨୦୧୯ ରେକର୍ଡକୁ ଭାଙ୍ଗିଛି ପଦ୍ମ । ମହାୟୁତି ୨ଶହରୁ ଅଧିକ ସିଟ୍ ଜିତିଥିବାରୁ, ୧୯୭୨ ମସିହା ପରେ ମହାରାଷ୍ଟ୍ରରେ ପ୍ରାକ୍-ନିର୍ବାଚନୀ ମେଣ୍ଟ ପାଇଁ ଏହା ସର୍ବବୃହତ୍ ବିଜୟ ।