• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ରାଜ୍ୟର ୫ଟି ମହାନଗର ନିଗମ, ୪୮ଟି ପୌର ପରିଷଦ ଓ ୬୮ଟି ବିଜ୍ଞପିତ ଅଞ୍ଚଳ ପରିଷଦର ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ଦରମା ଓ ଭତ୍ତାରେ ବୃଦ୍ଧି । ଏନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାନଗର ନିଗମର ମେୟର ପୂର୍ବରୁ ୮ ହଜାର ଟଙ୍କା ଦରମା ପାଉଥିବା ବେଳେ ଏହାକୁ ସଂଶୋଧନ କରାଯାଇ ମାସିକ ୫୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ଡେପୁଟି ମେୟରଙ୍କ ଦରମା ମାସିକ ୫ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି ।

ପୌର ପରିଷଦ ଅଧ୍ୟକ୍ଷଙ୍କ ଦରମା ମାସିକ ୧୫ ଶହରୁ ୧୫ ହଜାର ଟଙ୍କାକୁ, ଉପାଧ୍ୟକ୍ଷଙ୍କ ଦରମା ମାସିକ ୧୨ ଶହରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ଏନ୍.ଏ.ସି. ଅଧ୍ୟକ୍ଷମାନଙ୍କର ମାସିକ ଦରମା ହଜାରେ ଟଙ୍କାରୁ ୧୦ ହଜାର ଟଙ୍କାକୁ ଏବଂ ଉପାଧ୍ୟକ୍ଷଙ୍କ ମାସିକ ଦରମା ୮୦୦ ରୁ ୭ ହଜାର ୫୦୦ ଟଙ୍କାକୁ ବୃଦ୍ଧି କରାଯାଇଛି ।

ଅଧିକ ପଢ଼ନ୍ତୁ: ସଫେଇ କର୍ମଚାରୀଙ୍କ ଦାବି ଶୁଣିଲା ବିଏମସି, ୩ ଦିନ ଭିତରେ ଘୋଷଣା ହେବ ବର୍ଦ୍ଧିତ ଦରମା

ସେହିଭଳି ମହାନଗର ନିଗମ କର୍ପୋରେଟରମାନେ ପ୍ରତି ବୈଠକ ପାଇଁ ଭତ୍ତା ବାବଦରେ ୭୦୦ ଟଙ୍କା ପାଉଥିବା ବେଳେ ଏବେ ଏହାକୁ ୨ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ବିଭିନ୍ନ ପୌର ପରିଷଦ ଓ ଏନ୍.ଏ.ସି.ର କାଉନସିଲରଙ୍କ ଭତ୍ତା ୧୫୦ରୁ ୫୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ମହାନଗର ନିଗମର ଷ୍ଟାଣ୍ଡିଂ କମିଟିର ସଦସ୍ୟମାନଙ୍କୁ ବୈଠକ ସମୟରେ ମଧ୍ୟ ଦୈନିକ ୨୦୦ ଟଙ୍କା ଭତ୍ତା ମିଳିବ । ପୌରାଞ୍ଚଳଗୁଡିକର ନିର୍ବାଚିତ ପ୍ରତିନିଧିମାନଙ୍କ ପାଇଁ ଅନୁକମ୍ପା ସହାୟତା ଲାଗୁ କରାଯିବା ନେଇ ମଧ୍ୟ ଘୋଷଣା ହୋଇଛି । ମୃତ୍ୟୁ କ୍ଷେତ୍ରରେ ଏହି ସହାୟତା ରାଶି ୨ ଲକ୍ଷ ଟଙ୍କା ରଖାଯାଇଥିବା ବେଳେ ସମ୍ପୂର୍ଣ୍ଣ ଓ ଆଂଶିକ ଅକ୍ଷମତା କ୍ଷେତ୍ରରେ ୨ ଲକ୍ଷ ଓ ୧ ଲକ୍ଷ ଟଙ୍କା ରଖାଯାଇଛି । ଏଥିପାଇଁ ରାଜ୍ୟ ସରକାର ୪ କୋଟି ୭୬ ଲକ୍ଷ ୫୨ ହଜାର ଟଙ୍କା ବାର୍ଷିକ ବ୍ୟୟ ବହନ କରିବେ ।