• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ଆସନ୍ତାକାଲିର ଐତିହାସିକ ମୁହୂର୍ତ୍ତକୁ ସମସ୍ତଙ୍କ ଅପେକ୍ଷା । ସଂଧ୍ୟା ୫ଟାରେ ଶପଥ ନେବେ ରାଜ୍ୟରେ ପ୍ରଥମ କରି ଶାସନ ଆରମ୍ଭ କରିବାକୁ ଯାଉଥିବା ବିଜେପି ସରକାର । ଏଥିପାଇଁ ଏ ଆୟୋଜନ, ଏତେ ସାଜସଜା । ମୋହନ ମାଝୀଙ୍କ ନେତୃତ୍ବରେ ବିଜେପି ସରକାରର ପ୍ରଥମ ଶପଥ ଗ୍ରହଣ ଉତ୍ସବକୁ ଭବ୍ୟ, ବିଶାଳ ଏବଂ ବର୍ଣ୍ଣାଢ୍ୟ କରିବାକୁ ଦୁଇ ଦିନ ଆଗରୁ ସଜେଇ ହୋଇଛି ରାଜଧାନୀର ଜନତା ମୈଦାନ । ଏଇଠୁ ଆଉ ଏଇ ମଞ୍ଚରୁ ହିଁ ରାଜ୍ୟରେ ମୁଳଦୂଆ ପକାଇବାକୁ ଯାଉଛି ପଦ୍ମ ଦଳର ସରକାର ।

୨୦୨୪ ନିର୍ବାଚନରେ ପ୍ରଚଣ୍ଡ ଜନମତ ସହ ନିରଙ୍କୁଶ ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ଏକାକୀ ସରକାର ଗଢୁଥିବା ବିଜେପିର ଏହି ଐତିହାସିକ ମୁହୂର୍ତ୍ତର ସାକ୍ଷୀ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଶପଥ ଗ୍ରହଣ ଉତ୍ସବ ପ୍ରଧାନମନ୍ତ୍ରୀଙ୍କ ସମେତ ଅତିଥି ହେବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ସେହିଭଳି କେନ୍ଦ୍ର ମନ୍ତ୍ରୀମଣ୍ଡଳର ଅନେକ ସଦସ୍ୟ, ଏନଡିଏ ଓ ବିଜେପି ଶାସିତ ରାଜ୍ୟର କିଛି ମୁଖ୍ୟମନ୍ତ୍ରୀ, ରାଜ୍ୟ ଓ ରାଜ୍ୟ ବାହାରର ବହୁ ସାଧୁସନ୍ଥ ଏବଂ ରାଜନୀତି, କ୍ରୀଡ଼ା, ବ୍ୟବସାୟ ଓ ମନୋରଞ୍ଜନ ଆଦି କ୍ଷେତ୍ରରେ ପ୍ରତିଷ୍ଠିତ ଦେଶର କିଛି ବିଶିଷ୍ଟ ବ୍ୟକ୍ତି ମଧ୍ୟ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି ।

ଅଧିକ ପଢ଼ନ୍ତୁ: ଓଡ଼ିଶାର ମଙ୍ଗ ଧରିଲେ ମୋହନ ମାଝୀ; ଆସନ୍ତୁ ଜାଣିବା ତାଙ୍କର ପୂରା ରାଜନୈତିକ କ୍ୟାରିୟର୍

ଏପଟେ କାଲିର ଶପଥ ଗ୍ରହଣ ସମାରୋହ ଲାଗି କଡ଼ା ସୁରକ୍ଷା ବଳୟ ଭିତରେ ରହିଛି ରାଜଧାନୀ ଭୁବନେଶ୍ୱର । ଉତ୍ସବ ଲାଗି ୬୭ ପ୍ଲାଟୁନ୍ ଫୋର୍ସ ମୁତୟନ ହେବେ। ତମାମ କାର୍ଯ୍ୟକ୍ରମ ପରିଚାଳନା ଲାଗି ଜଣେ ଆଇଜି ଓ ୨ ଡିଆଇଜିଙ୍କୁ ଦାୟିତ୍ୱ ମିଳିଛି । କେବଳ ଜନତା ମଇଦାନ ସୁରକ୍ଷାର ତଦାରଖ କରିବେ ଆଇଜି ପ୍ରବୀଣ କୁମାର । ସେହିଭଳି ଡିଆଇଜି ସାର୍ଥକ ଷଡ଼ଙ୍ଗୀ ଏୟାରପୋର୍ଟ ଏବଂ ଉମାଶଙ୍କର ଦାସ ଟ୍ରାଫିକ ପରିଚାଳନା କଥା ବୁଝିବେ । ମୋଟ ୧୩ ଡିସିପି, ୧୮ ଏଡିସିପି ରାଙ୍କ ଅଧିକାରୀ ଅନ୍ୟାନ୍ୟ ସୁରକ୍ଷା ଓ ଶାନ୍ତିଶୃଙ୍ଖଳା ଦାୟିତ୍ୱରେ ରହିବେ। ଆସନ୍ତାକାଲି ଦିନ ୨ଟାରୁ ୭ଟା ପର୍ଯ୍ୟନ୍ତ ସଂପୃକ୍ତ ଅଞ୍ଚଳରେ ଟ୍ରାଫିକ କଟକଣା ଲାଗି ରହିବ। ଜୟଦେବ ବିହାରରୁ ନାଲକୋ ଛକ ଏବଂ ସଂଲଗ୍ନ ଗଳି ରାସ୍ତାରେ ଗାଡ଼ି ଚଳାଚଳ ଉପରେ ମଧ୍ୟ କଟକଣା ଜାରି କରାଯାଇଛି ।

OTV is now on Whatsapp

Join and get latest news update delivered to you via whatsapp

Join Now