• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ୨୫ ସକାଳ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ସାଇକ୍ଲୋନ । ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେଇପାରେ । ବାଂଲାଦେଶ ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପାଖାପାଖି ପହଞ୍ଚିବ । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ କେନ୍ଦ୍ର । ଲଘୁଚାପ ଅଧିକ ଘନୀଭୂତ ହୋଇ ଆଜି ସୁଦୃଶ ଲଘୁଚାପରେ ପରିଣତ ହୋଇଛି ।

କାଲି ସକାଳ ସୁଦ୍ଧା ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ଏହାର ପ୍ରଭାବ ଓଡ଼ିଶା ଉପରେ ରହିବନି ବୋଲି କହିଥିଲେ IMD ଡିଜି ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ଓ ତତ୍ ସଂଲଗ୍ନ ଉତ୍ତର ତାମିଲନାଡୁ-ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୫.୮ କିଲୋମିଟର ଯାଏ ବ୍ୟାପିଛି ।

ପାଣିପାଗ ବିଭାଗ ପୂର୍ବାନୁମାନ କରିଛି, ଲଘୁଚାପ ଉତ୍ତରପୂର୍ବ ଦିଗରେ ଗତି କରିବ । ଅଧିକ ଘନୀଭୂତ ହୋଇ ୨୪ ତାରିଖ ସକାଳେ ଡିପ୍ରେସନ୍ ବା ଅବପାତର ରୂପ ନେବ । ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରିପାରେ । ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ଆଜିଠାରୁ ଦକ୍ଷିଣ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୩୫ରୁ ୪୫ କିଲୋମିଟର ବେଗରେ ବହିବ ପବନ ।

୨୪ ତାରିଖ ସକାଳ ବେଳକୁ ପବନର ବେଗ ସମୁଦ୍ରରେ ଅଧିକ ରହିବ । ଏହାକୁ ଦୃଷ୍ଟିରେ ରଖି ୨୩ ତାରିଖରୁ କେନ୍ଦ୍ରୀୟ ଓ ୨୪ରୁ ଉତ୍ତର ବଙ୍ଗୋପସାଗର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ଯେଉଁମାନେ ସମୁଦ୍ରରେ ଅଛନ୍ତି ଫେରି ଆସିବାକୁ ସତର୍କ କରାଯାଇଛି । ଆସନ୍ତା ୨୫ ତାରିଖ ସୁଦ୍ଧା ଉପକୂଳ ଓ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

୨୫ ତାରିଖରେ ପ୍ରବଳ ବର୍ଷା ନେଇ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କାଲିଠୁ ମତ୍ସ୍ୟଜୀବୀଙ୍କୁ ଦକ୍ଷିଣ ବଙ୍ଗୋପସାଗରକୁ ପ୍ରବେଶ ବାରଣ କରାଯାଇଛି । ତେବେ ବାତ୍ୟା ନେଇ ଏଯାଏଁ କୌଣସି ଆକଳନ କରାଯାଇନି । ୨୨ ତାରିଖ ପରେ କିମ୍ବା ଲଘୁଚାପ ସୃଷ୍ଟି ହେବା ପରେ ହିଁ ଚିତ୍ର ସ୍ପଷ୍ଟ ହେବ । ଦୁଇ ଦିନ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ ।

୨୪ ତାରିଖରେ ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ୨୫ ତାରିଖ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି ହୋଇଛି । ସୂଚନାଯୋଗ୍ୟ ମେ’୧୯ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ସାଗର, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ନିକୋବର ଦ୍ୱୀପ ପୁଞ୍ଜ ଛୁଇଁଛି । କେରଳକୁ ମୌସୁମୀ ବାୟୁ ଛୁଇଁବା ପରେ ଓଡ଼ିଶାରେ କେବେ ମୌସୁମୀ ବାୟୁ ପହଞ୍ଚିବ ସେନେଇ କୁହାଯାଇପାରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

OTV is now on Whatsapp

Join and get latest news update delivered to you via whatsapp

Join Now