• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର ।  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଏବଂ ୯ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମିବା ସମ୍ଭାବନା ରହିଛି । ତଳୁଆ ଜମିରୁ ଜଳ ନିଷ୍କାସନ ଲାଗି ବ୍ୟବସ୍ଥା କରିବା ପାଇଁ ଚାଷୀମାନଙ୍କୁ ପରାମର୍ଶ ଦିଆଯାଇଛି । ବର୍ଷା ଯୋଗୁଁ ସହର ଅଞ୍ଚଳରେ ମଧ୍ୟ ଟ୍ରାଫିକ୍ ସମସ୍ୟା ଉପୁଜିପାରେ । ସେହିପରି ଆଜିଠାରୁ ସମୁଦ୍ର ଅଶାନ୍ତ ରହିବ । ଏଥିଲାଗି ସମୁଦ୍ର ନଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି । ଅତି ପ୍ରବଳ ବର୍ଷା ପ୍ରଭାବରେ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି ।

ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଉଛି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, କନ୍ଧମାଳ, ଗଂଜାମ ଏବଂ ପୁରୀ । ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ସେହିପରି ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଉଛି କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୟାଗଡ଼, ଅନୁଗୁଳ, ସୋନପୁର, ବରଗଡ଼ ଏବଂ ଗଜପତି ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତାକାଲି ଆହୁରି ବଢ଼ିବ ବର୍ଷା । ସାରା ରାଜ୍ୟରେ ବର୍ଷା ସମ୍ଭାବନା ।