/odishatv-khabar/media/post_attachments/uploadimage/library/16_9/16_9_0/Capture-2-1_1625463712.jpg)
Capture 2
ପୁରୀ: ସୁସ୍ଥ ହେଉଛନ୍ତି ଶ୍ରୀଜିଉ । ଅତ୍ୟଧିକ ସ୍ନାନ ପରେ ଜ୍ୱରରେ ପୀଡ଼ିତ ଥିବା ଚତୁର୍ଦ୍ଧା ମୂରତୀ, ଫୁଲୁରୀ ତେଲ ଲାଗି ହେବା ପରେ ଧୀରେ ଧୀରେ ସୁସ୍ଥ ହେଉଛନ୍ତି । ଏବେ ଅନବସର ଘରେ ଥିବା ଶ୍ରୀଜୀଉଙ୍କ ଲାଗି ଦେଉଳି ମଠରୁ ଫଳ ଭାର ଆସିଛି । ଶଗଡ଼ ଗାଡିରେ ନଡ଼ିଆ, କଦଳୀ, ପଣସ ଆଦି ଭାର ସହ ଫୁଲ ଓ ତୁଳସୀ ନେଇ ଭକ୍ତମାନେ ପୁରୀକୁ ଆସିଛନ୍ତି । ଏହି ଭାରକୁ ଦଇତାପତି ସେବକଙ୍କୁ ପ୍ରଦାନ କରାଯାଛି । ଅନବସର ସମୟରେ ମହାପ୍ରଭୁ ବିଭିନ୍ନ ପ୍ରକାର ଫଳ ସେବନ କରିଥାନ୍ତି ।
/odishatv-khabar/media/post_attachments/wp-content/uploads/2021/07/vlcsnap-error901.png)
ଦେବସ୍ନାନ ପୂର୍ଣ୍ଣିମା ପରଦିନଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ଜରରେ ପୀଡ଼ିତ ହୋଇ ଉପଚାର ଘେନୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତିନାହିଁ । ଏହି କାଳକୁ ଅଣସର ବା ଅନବସର କୁହାଯାଏ । ଦେବସ୍ନାନ ପୂର୍ଣ୍ଣିମା ଦିନ ଦେବସ୍ନାନ ମଣ୍ଡପରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପ୍ରତିମା ଉପରେ ସୁନାକୂଅର ଅଧିବାସ ହୋଇ ରହିଥିବା ୧୦୮ ଗରା ଜଳ ଢଳାହୋଇ ସ୍ନାନ କରାଯାଏ । ଲଗାତର ୨୧ଦିନ ଧରି ନରେନ୍ଦ୍ର ପୋଖରୀରେ ଚାପଖେଳିବା ପରେ ଶ୍ରୀଜୀଉମାନେ ୧୦୮ ଗରା ଜଳରେ ସ୍ନାନ କରିବାରୁ ତାଙ୍କୁ ଜ୍ୱର ହୋଇଛି ବୋଲି ଯାତ୍ରୀମାନଙ୍କୁ କୁହାଯାଏ । ଜ୍ୱର ହେବାପରେ ଶ୍ରୀଜୀଉମାନଙ୍କୁ ଉପଚାର କରିବା ନିମନ୍ତେ ଦଇତାପତି ସେବକ ଓ ଅନ୍ୟ ସେବକମାନେ ଠାକୁରମାନଙ୍କୁ ଅଣସର ଘରକୁ ନିଅନ୍ତି ।
ଏହି ସମୟରେ ମହାପ୍ରଭୁଙ୍କ ଦେହରେ ଚୁଆ, କର୍ପୁର, କସ୍ତୁରୀ ଓ ଚନ୍ଦନ ଲେପନ କରାଯିବା ସହ ପାରମ୍ପାରିକ ଉପଚାର କରାଯାଏ । ଅଣସର ଘରେ କେବଳ ଦଇତା ସେବକମାନେ ଅର୍ଥାତ ବିଶ୍ୱାବସୁଙ୍କ ବଂଶଧରମାନେ ସେବାକାର୍ଯ୍ୟ କରନ୍ତି । ବର୍ଷକ ବାର ମାସ ମଧ୍ୟରୁ ପତି ମହାପାତ୍ର ବା ବ୍ରାହ୍ମଣମାନଙ୍କ ସେବା ୧୧ମାସ ଏବଂ ଦଇତାମାନଙ୍କ ସେବା ଏକ ମାସ । ଏହା ଆଷାଢ଼ କୃଷ୍ଣ ପ୍ରତିପଦାରୁ ନୀଳାଦ୍ରୀ ବିଜେ ଯାଏଁ ଚଉଦଦିନ ଧରି କରାଯାଇଥାଏ ।
ଅଣସର ସମୟରେ ଗର୍ଭଗୃହରେ ଦାରୁ ମୂର୍ତ୍ତିମାନଙ୍କ ବଦଳରେ ପଟିଦିଅଁଙ୍କୁ ପୂଜା କରାଯାଇଥାଏ । ବଳଭଦ୍ରଙ୍କ ପଟିଦିଅଁ ବାସୁଦେବ, ଦେବୀ ସୁଭଦ୍ରାଙ୍କର ପଟିଦିଅଁ ଭାବେ ଯାଜ୍ଞସେନୀ ବା ଭୁବନେଶ୍ୱରୀ ଓ ଜଗନ୍ନାଥଙ୍କ ପଟିଦିଅଁ ଭାବେ ନାରାୟଣ ପୂଜା ପାଇବେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)